ଗାନ୍ଧି ଜୟନ୍ତୀରେ ସ୍ୱରାଜ ବୃକ୍ଷ ରୋପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅଶ୍ବତ୍‌ଥ ବୃକ୍ଷ ଶାନ୍ତି, ସ୍ବାଧୀନତା ଓ ଅହିଂସାର ବାର୍ତ୍ତା ବାହକ । ବୃକ୍ଷ ସାମାଜିକ ଓ ସାଂସ୍କୃତିକ ଜୀବନର ସାକ୍ଷୀ । ଗାନ୍ଧି ଜୟନ୍ତୀ ଅବସରରେ ଲୋକସେବା ଭବନରେ ପାଳିତ ହୋଇଛି ଶାନ୍ତି, ଅହିଂସା ଓ ସ୍ବରାଜ ମହୋତ୍ସବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନ ପରିସରରେ ଅଶ୍ବତ୍‌ଥ ବୃକ୍ଷକୁ ସ୍ବରାଜ ବୃକ୍ଷ ଭାବରେ ରୋପଣ କରିଛନ୍ତି । ସାରା ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ପବିତ୍ର ମାଟି ଓ ଜଳ ସିଞ୍ଚନ କରି ମୁଖ୍ୟମନ୍ତ୍ରୀ ସ୍ବରାଜ ବୃକ୍ଷ ରୋପଣ କରିଥିଲେ ।

ଗାନ୍ଧୀଙ୍କ ଶାନ୍ତି ଓ ଅହିଂସା ମନ୍ତ୍ରରେ ଦୀକ୍ଷିତ ହୋଇ ଏକ ସମୃଦ୍ଧ ଭାରତ ଗଠନ ନିମନ୍ତେ ଶକ୍ତିଶାଳୀ ଯୋଗଦାନ ରଖିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି ।ସାରା ରାଜ୍ୟରେ ବୁଲି ବୁଲି ଶାନ୍ତି ଓ ଅହିଂସାର ବାର୍ତ୍ତା ପ୍ରଚାର କରୁଥିବା ଅହିଂସା ରଥ ଆସି ଲୋକସେବା ଭବନରେ ପହଞ୍ଚିଥିଲା। ଏହାକୁ ସ୍ବାଗତ କରିଥିଲେ ମୁଖ୍ୟମନ୍ତ୍ରୀ । ଆହିଂସା ରଥକୁ ଓଡିଶାବାସୀ ଯେଭଳି ଭାବରେ ବିପୁଳ ସ୍ବାଗତ ସମ୍ମାନ ଜଣାଇଲେ ସେଥିପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ନବୀନ ।

ଏହି ଅବସରରେ ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସଂଘର ସଭାପତି ନୀଳମଣି ସାମଲ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଧୀନତା ସଂଗ୍ରାମର ଏକ ପ୍ରମୁଖ ପ୍ରତୀକ ଭାବେ ଏକ ଅରଟ ଉପହାର ପ୍ରଦାନ କରିଥିଲେ । ମୁଖ୍ୟମନ୍ତ୍ରୀ ନୀଳମଣିଙ୍କୁ ଏକ ଶାଲ୍‌ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ । ଉତ୍କଳ ପ୍ରସଙ୍ଗ, ଓଡିଶା ରିଭ୍ୟୁର ସ୍ୱତନ୍ତ୍ର ସଂଖ୍ୟା ସହିତ ଓଡିଶାର ଗାନ୍ଧୀ ପୁସ୍ତକ ର ମଧ୍ୟ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ ।