ଫେବୃଆରୀ ଶେଷ ସୁଦ୍ଧା ରାଜ୍ୟର ସବୁ ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍

1 min read

ଭୁବନେଶ୍ବର: ଫେବୃଆରୀ ଶେଷ ସୁଦ୍ଧା ରାଜ୍ୟର ସବୁ ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍ । ରାଜ୍ୟର ସବୁ ଜିଲ୍ଲାରେ ପଞ୍ଚାଯତରୁ ବ୍ଲକକୁ ଗଡ଼ିବ ଲକ୍ଷ୍ମୀ । ବୁଧବାର ଆଉ ତିନି ଜିଲ୍ଲାରେ ଲକ୍ଷ୍ମୀ ବସର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେବଗଡ, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବା ଆରମ୍ଭ ହୋଇଛି । ୩ଟି ଜିଲ୍ଲାର ୪୪୦ଟି ପଞ୍ଚାୟତରେ ୧୦୧ଟି ବସ୍ ଚାଲିବ । ଏହା ଦ୍ୱାରା ୨୭ ଲକ୍ଷରୁ ଅଧିକ ଲୋକ ଉପକାର ପାଇବେ । ଦେବଗଡର ୬୯ଟି ପଞ୍ଚାୟତରେ  ୧୭ଟି ବସ୍ ଚାଲିବାକୁ ଥିବାବେଳେ ଏହାଦ୍ବାରା ୩ ଲକ୍ ଉପକୃତ ହେବେ । ଅନୁଗୁଳରେ ୧୭୬ଟି ପଞ୍ଚାୟତରେ  ୨୯ଟି ବସ୍ ଚାଲିବ ଏବଂ ୧୧ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ । ସେହିପରି ଢେଙ୍କାନାଳର ୧୯୫ଟି ପଞ୍ଚାୟତରେ  ୫୫ଟି ବସ୍ ଚାଲିବ ଏବଂ ୧୩ ଲକ୍ଷ ଲୋକ ଉପକୃତ ହେବେ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଲକ୍ଷ୍ମୀ ବସ୍ ଆମ ଜୀବନକୁ ସହଜ କରିଛି । ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଏହା ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ । ଲକ୍ଷ୍ମୀ ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା।  ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍ ସେବା ପାଇଥିଲେ ।

ଯୋଜନାରେ ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ । 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚାଳନା ଦାୟିତ୍ୱ ଦିଆଯାଇଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି । ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ । ସେହିପରି ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍ ବସ୍ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍ ବସ୍ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍ ଟିକେଟ ମୂଲ୍ୟ ଅଧା କରାଯାଇଛି । ଗାଁର ରୂପାନ୍ତର ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜାରି ରହିଛି ।

ଗ୍ରାମାଞ୍ଚଳରେ ଗମନାଗମନର ବହୁ ସମସ୍ୟା ରହିଥିଲା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଏ ବିଷୟରେ ଜାଣି ନିଷ୍ପତ୍ତିକ୍ରମେ ଏହି ଲକ୍ଷ୍ମୀ ବସ୍ ଯୋଜନା ଆରମ୍ଭ କରାଗଲା । ଲକ୍ଷ୍ମୀ ବସ ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସରେ ଯିବାଆସିବା କରିପାରିବେ । ଏହି ଅବସରରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କହିଥିଲେ, ଲକ୍ଷ୍ମୀ ବସ୍ ହେଉଛି  ଆପଣଙ୍କ ସମ୍ପତ୍ତି। ଆପଣମାନେ ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରନ୍ତୁ। ଲୋକଙ୍କୁ ଉପଯୁକ୍ତ ସମ୍ମାନ ଦେଇ ସେମାନଙ୍କ ସୁରକ୍ଷା ପ୍ରତି ଯତ୍ନବାନ ହେବାକୁ ସେ  ବସ୍ କର୍ମଚାରୀମାନଙ୍କୁ ପରାମର୍ଶ ଦେଇଥିଲେ।