ଗୁଳୁଗୁଳିରୁ ମିଳିବ ତ୍ରାହି, ୪୮ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳିରୁ ମିଳିବ ତ୍ରାହି । ସେପ୍ଟେମ୍ବର ୩ରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଫଳରେ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ । ଏପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ବଢିଛି ତାପମାତ୍ରା ।

ସ୍ବାଭାବିକଠୁ ୩ରୁ ୪ ଡିଗ୍ରୀ ଉପରେ ପାରଦ। ଫଳରେ ଖରା ସହିତ ଅସହ୍ୟ ଗୁଳୁଗୁଳିରେ ଘଣ୍ଟା ହେଉଛନ୍ତି ଲୋକ । ସେପଟେ ଆଜିଠୁ ପାଗ ବଦଳିବା ସମ୍ଭାବନା ରହିଛି । ଆଜି ବିଭିନ୍ନ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ।  ଏନେଇ ୨୨ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଦେବଗଡ଼,ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ସାମାନ୍ୟ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେପଟେ ଆସନ୍ତା ୪ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।