ବଙ୍ଗୋପସାଗରରେ ଦାନା ବାନ୍ଧୁଛି ୩ ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ତିନି ତିନିଟି ଲଘୁଚାପ। ଆନ୍ଧ୍ର ଉପକୂଳ ଏବଂ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଆଉ ଏକ ଘୂର୍ଣ୍ଣିବଳୟ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି।

ସେହିପରି ଆସନ୍ତା ୬ ତାରିଖ ବେଳକୁ ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଘନିଭୂତ ହେବା ପରେ ଏହା ପଶ୍ଚିମ ଏବଂ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହି ତିନୋଟି ସିଷ୍ଟମ୍ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ ନୂଆପଡାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ୬ ତାରିଖରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ ଏବଂ କଟକରେ ପ୍ରବଳ ବର୍ଷା ପାଇଁ ସତର୍କତା ଜାରି କରାଯାଇଛି ।

ଏହି ବର୍ଷା ୮ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ଜୁନ୍ ୧ ତାରିଖରୁ ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ୬୭୧.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ରାଜ୍ୟର ୨୪ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ୬ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ କରାଯାଇଛି । ନିଅଣ୍ଟିଆ ବର୍ଷା ପାଇଁ ଯାଜପୁର, ଭଦ୍ରକ, ବଲାଙ୍ଗିର, ଝାରସୁଗୁଡା ଏବଂ ଅନୁଗୁଳ ଜିଲ୍ଲା ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ।

Leave a Reply