ଘନୀଭୂତ ହେଉଛି ଘୂର୍ଣ୍ଣିବଳୟ, ଚିତ୍ର ସ୍ପଷ୍ଟ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

1 min read

ଭୁବନେଶ୍ୱର: ଘନୀଭୂତ ହେଉଛି ଘୂର୍ଣ୍ଣିବଳୟ, ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ବଢିଥିବା ବେଳେ ଚିତ୍ର ସ୍ପଷ୍ଟ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ବଢିଛି। ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଗତକାଲି ତୁଳନାରେ ଅଧିକ ଘନୀଭୂତ ହେବାରେ ଲାଗିଛି |

ପ୍ରଭାବରେ ୨୦ ତାରିଖ ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି।

ସେହିପରି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି | ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାସହ ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ପୂର୍ବରୁ ବିଭିନ୍ନ ମଡେଲ୍‌ରେ ବାତ୍ୟା ନେଇ ଆକଳନ କରିଯାଇଥିଲା।