ପୁରୀ ଉପକୂଳ ଅତିକ୍ରମ କଲା ଗଭୀର ଅବପାତ

1 min read

ନନ୍ଦିଘୋଷ ବ୍ୟୁରୋ: ପୁରୀ ଉପକୂଳ ଅତିକ୍ରମ କଲା ଗଭୀର ଅବପାତ । ଦିନ ସାଢେ ୧୦ରୁ ସାଢେ ୧୧ଟା ମଧ୍ୟରେ ଉପକୂଳ ଅତିକ୍ରମ କରିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଗଭୀର ଅବପାତ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗିରହିଛି । ବିଶେଷ କରି ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଭୀଷଣ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଭୀଷଣ ବର୍ଷା ନେଇ ୧୦ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ସେହିଭଳି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୨ଟି ଜିଲ୍ଲାକୁ ଅରେଞ୍ଜ ଏବଂ ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ରେଡ ଆଲର୍ଟରେ ଥିବା ଜିଲ୍ଲା ଗୁଡିକ ହେଲା  ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର । ସେହିଭଳି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବରଗଡ, ସୋନପୁର, ନୂଆପଡା, କଳାହାଣ୍ଡି, ରାୟଗଡା ଏବଂ ଗଜପତି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା ଏବଂ ଦେବଗଡକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର।କାଲି ସକାଳ ପର୍ଯ୍ୟନ୍ତ ସର୍ବାଧିକ ବର୍ଷାର ପ୍ରଭାବ ରହିବ । କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଝାରସୁଗୁଡା, ବରଗଡ ଏବଂ ନୂଆପଡାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଗଭୀର ଅବପାତଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଆସନ୍ତା ଦୁଇ ଦିନ ମଧ୍ୟରେ ଉତ୍ତର ଓଡ଼ିଶା, ଗାଙ୍ଗେଟି ପଶ୍ଚିମବଙ୍ଗ, ଝାଡଖଣ୍ଡ ଦେଇ ଛତିଶଗଡ ମୁହାଁ ହେବ।