ମା’ ମାଣିକେଶ୍ବରୀଙ୍କ ଛତର ଯାତ୍ରା, ପାରମ୍ପରିକ ନୃତ୍ୟଗୀତରେ ଦୁଲୁକିଲା ଅଞ୍ଚଳ

ଭବାନୀପାଟଣା: କଳାହାଣ୍ଡିରେ ଚାଲିଛି ଇଷ୍ଟଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । ଭବାନୀପାଟଣା ସହର ପଶ୍ଚିମ ଉପକଣ୍ଠରେ ଥିବା ଫାଶୀ ଡଙ୍ଗର ଜେନାଖାଲରେ ମାଣିକେଶ୍ୱରୀଙ୍କ ଗୁପ୍ତ ରୀତିନୀତିରେ ପୂଜାର୍ଚ୍ଚନା ସାରି ମନ୍ଦିର ଅଭିମୁଖେ ବାହାରିଛି ମା’ଙ୍କ ବିଜୟ ପ୍ରତିମା ଛତର । ରାସ୍ତାରେ ଭକ୍ତମାନେ ଧୂପ, ଦୀପ, ନୈବେଦ୍ୟ ଅର୍ପଣ କରିଛନ୍ତି ।

ଏହି ଅବସରରେ ଶାନ୍ତିର ପ୍ରତୀକ ଭାବେ ଶହ ଶହ ପାରାକୁ ଦେବୀଙ୍କ ଛତର ଉପରେ ଉଡ଼ାଇବାର ପରମ୍ପରା ଦେଖିବାକୁ ମିଳିଛି । ଜେନା ବାଦ୍ୟ ଓ ବୀର ବାଦ୍ୟ ଘୁମୁରା ତାଳେ ତାଳେ ମା’ଙ୍କୁ ପାଛୋଟି ନେଉଛନ୍ତି ଶ୍ରଦ୍ଧାଳୁ । ମାଣିକେଶ୍ବରୀଙ୍କ ଦର୍ଶନ ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ  ସମାଗମ ହୋଇଛି । ଜେନାଖାଲଠାରୁ ମନ୍ଦିର ପର୍ଯ୍ୟନ୍ତ ପ୍ରାୟ ତିନି କିଲୋମିଟର ପର୍ଯ୍ୟନ୍ତ ଭକ୍ତଙ୍କ ସମାଗମ ହୋଇଛି ।

ମା’ ମାଣିକେଶ୍ବରୀଙ୍କ ପାଖରେ ବଳି ଦିଆଯିବା ଏକ ସ୍ବତନ୍ତ୍ର ପରମ୍ପରା ରହିଛି । ମା’ଙ୍କ ରୀତିନୀତି ଅନୁଯାୟୀ ହଜାର ହଜାର ବର୍ଷ ଧରି ଏହି ଯାତ୍ରାକୁ ପାଳନ କରି ଆସୁଛନ୍ତି କଳାହାଣ୍ଡିବାସୀ । ସେପଟେ ମା’ଙ୍କ ବିଜୟ ପ୍ରତିମା ଛତର ବାହାରିବା ପରେ ମାନସିକ ଧାରି ବୋଦା ଓ କୁକୁଡ଼ା ଆଦି ବଳି ଆରମ୍ଭ ହୋଇ ସାରିଛି ।