ଅଣସର ଘରେ ଜ୍ବରରେ ପୀଡିତ ଅଛନ୍ତି ଚତୁର୍ଦ୍ଧାମୂର୍ତ୍ତି, ଆଜି ମହାପ୍ରଭୁଙ୍କୁ ଲାଗି ହେବ ଫୁଲୁରୀ ତେଲ

ପୁରୀ: ଆଜି ଆଷାଢ଼ କୃଷ୍ଣ ପଞ୍ଚମୀ ତିଥିରେ ମହାପ୍ରଭୁଙ୍କୁ ଲାଗି ହେବ ଫୁଲୁରୀ ତେଲ । ଦେବ ସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରି ଅଣସର ଘରେ ଜ୍ୱରରେ ପୀଡିତ ଅଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଅଣସର ଗୃହରେ କ୍ଷୀଣ ଆଲୋକରେ ଦଇତାପତି ଓ ପତିମହାପାତ୍ର ସେବକଙ୍କ ଦ୍ୱାରା ଗୁପ୍ତସେବା ଚାଲିଥିବାବେଳେ ଚତୁର୍ଦ୍ଧା ବିଗ୍ରହଙ୍କ ଶ୍ରୀଅଙ୍ଗରେ ଲାଗି କରାଯିବ ଫୁଲୁରି ତେଲ । ବଡ଼ ଓଡ଼ିଆ ମଠ ପକ୍ଷରୁ ଚତୁର୍ଦ୍ଧା ବିଗ୍ରହଙ୍କ ଲାଗି ଫୁଲୁରି ତେଲ ଯୋଗାଇ ଦିଆଯିବ । ବର୍ଷକ ତଳୁ ଘଣା ପେଡ଼ା ରାଶି ତେଲରେ ବିଭିନ୍ନ ପ୍ରକାର ସୁବାସିତ ଫୁଲ, କର୍ପୁର, ଔଷଧୀୟ ଚେରମୂଳ ଓ ସୁବାସିତ ଦ୍ରବ୍ୟ ପଡ଼ି ଏହାକୁ ମାଟି ତଳେ ପୋତାଯାଇ ପ୍ରସ୍ତୁତ କରାଯାଇଥାଏ । ମଧ୍ୟାହ୍ନ ଧୂପ ଏବଂ ଦକ୍ଷୀଣି ଘର ଭୋଗ ସମ୍ପନ୍ନ ପରେ ପତି ମହାପାତ୍ର ସେବକ ଏହାକୁ ସଂସ୍କାର କରି ଦଇତାପତିଙ୍କୁ ଯୋଗାଇବା ପରେ ଦଇତାପତି ସେବକ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଏହାକୁ ମର୍ଦନ କରିବେ । ମହାପ୍ରଭୁଙ୍କ ଗୁପ୍ତ ନିତୀ ମଧ୍ୟରେ ଫୁଲୁରି ତେଲ ଲାଗି ହେଉଛି ଏକ ଗୁରୁତ୍ୱପୂର୍ଣ ଅଂଶ ।