ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା ଓ ପଡା ପୁଷ୍ଟି କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ୱର: ରାଜ୍ୟର ମା, କିଶୋରୀ ଝିଅ ଓ ଶିଶୁଙ୍କ ଉପଯୁକ୍ତ ପୁଷ୍ଟିସାଧନ ଉଦ୍ଦେଶ୍ୟରେ ରାଜ୍ୟରେ ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ମୁଖ୍ୟମନ୍ତ୍ରୀ ‘ପଡା ପୁଷ୍ଟି କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରିଛନ୍ତି। ଏହି ଯୋଜନାରେ ସାରା ରାଜ୍ୟରେ ୧୫ରୁ ୧୯ବର୍ଷ ବୟସର ସମସ୍ତ କିଶୋରୀ ବାଳିକାଙ୍କୁ ପୁଷ୍ଟି ସହାୟତା ସହିତ ଗର୍ଭବତୀ ମହିଳା ଓ ପ୍ରସୂତୀ ମାଙ୍କ ପାଇଁ ଅଧିକ ଶୁଖିଲା ଖାଦ୍ୟର ବ୍ୟବସ୍ଥା, ଅତିଶୟ ପୁଷ୍ଟିହୀନ ପିଲାଙ୍କ ପାଇଁ ସମ୍ପୂର୍ଣ୍ଣ ଆହାର, ମଧ୍ୟମ ପୁଷ୍ଟିହୀନ ପିଲା ଏବଂ ଅତିଶୟ କମ୍ ଓଜନର ପିଲାଙ୍କ ପାଇଁ ଭିଟାମିନଯୁକ୍ତ ଛତୁଆ ଓ ଅଣ୍ଡା ପ୍ରଦାନର ବ୍ୟବସ୍ଥା ରହିଛି ।

ପଡା ପୁଷ୍ଟି ଯୋଜନାରେ ଦୁର୍ଗମ ତଥା ଆଦିବାସୀ ଅଞ୍ଚଳର ପିଲାଙ୍କୁ ସେମାନଙ୍କ ପଡା ତଥା ଗାଁରେ ଉତ୍ତମ ରନ୍ଧା ଖାଦ୍ୟ ଯୋଗାଇ ଦିଆଯିବ। ପୁଷ୍ଟି ସହିତ ସମୃଦ୍ଧିର ଗଭୀର ସମ୍ପର୍କ ରହିଛି। ତେଣୁ ପୁଷ୍ଟିର ଉନ୍ନତି ଜରିଆରେ ବିକାଶର ଲକ୍ଷ୍ୟ ପୂରଣ କରିପାରିବା ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି। ପରିବାରକୁ ଉପଯୁକ୍ତ ପୁଷ୍ଟି କେବଳ ମା ହିଁ ଦେଇପାରିବ। ତେଣୁ ଏହି କାର୍ଯ୍ୟକ୍ରମର ସଫଳତା ମାଙ୍କ ଉପରେ ନିର୍ଭର କରେ। ଅଙ୍ଗନବାଡି କର୍ମୀ ଓ ମିଶନ ଶକ୍ତି ମାଙ୍କର ମଧ୍ୟ ଏହି କାର୍ଯ୍ୟକ୍ରମର ସଫଳତା ପାଇଁ ଗୁରୁଦାୟିତ୍ୱ ରହିଛି। ଓଡିଶା ଦେଶର ପ୍ରଥମ ରାଜ୍ୟ ଭାବେ ୨୦୨୦-୨୧ ବର୍ଷରୁ ପୁଷ୍ଟି ବଜେଟ ପରିକଳ୍ପନା କରିଛି ।

ମମତା ଯୋଜନାରେ ରାଜ୍ୟର ଗର୍ଭବତୀ ମହିଳା ଓ ନବଜାତ ଶିଶୁଙ୍କ ସ୍ୱାସ୍ଥ୍ୟର ଉପଯୁକ୍ତ ଯତ୍ନ ନିଆଯାଉଛି। ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ଏ କ୍ଷେତ୍ରକୁ ଅଧିକ ସୁଦୃଢ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାଦ୍ୱାରା ରାଜ୍ୟର ପ୍ରତ୍ୟେକ ମହିଳା ଓ ଶିଶୁ ସ୍ୱାସ୍ଥ୍ୟବାନ ହୋଇପାରିବେ । ଏହା ଦ୍ୱାରା ରାଜ୍ୟ ସମୃଦ୍ଧି ପଥରେ ଆଗେଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। 5Tର ପାଞ୍ଚଟି ଉପାଦାନର ପ୍ରୟୋଗରେ ମହିଳା ଓ ଶିଶୁ ବିକାଶ ବିଭାଗ ତୃଣମୂଳସ୍ତରରେ ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ କାର୍ଯ୍ୟ କରିବ ।