ଆଜି ପବିତ୍ର ନନ୍ଦୋତ୍ସବ, ପୁରୀରେ ସ୍ବତନ୍ତ୍ର ନୀତିକାନ୍ତି

ପୁରୀ: ଆଜି ଶ୍ରୀମନ୍ଦିରରେ ନନ୍ଦୋତ୍ସବ । ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଗତକାଲି ପ୍ରଭୁ ଶ୍ରୀକୃଷ୍ଣ ଧରାବତାରଣ କରିଥିଲେ। ଏଥିପାଇଁ ଉତ୍ସବମୁଖର ହୋଇଉଠିଛି ସମସ୍ତ ମଠ ମନ୍ଦିର। ମଧ୍ୟରାତ୍ରିରେ ଶ୍ରୀକୃଷ୍ଣଙ୍କ ଧରାବତାରଣ ପରେ ଆଜି ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ ନୀତି । ସନ୍ଧ୍ୟାଆଳତୀ ସରିବାପରେ ମହାଜନ ସେବାୟତମାନେ ରାମକୃଷ୍ଣ ଓ ଦକ୍ଷିଣଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ। ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଓ ମାର୍କଣ୍ଡି ପୂଜା ହେବ। ମଙ୍ଗଳାର୍ପଣ ଓ ବନ୍ଦାପନା ନୀତି ପରେ ଭଣ୍ଡାରଘରୁ ଦେବୀ ଦୁର୍ଗାଙ୍କୁ ପତିମହାପାତ୍ର ବିଜେ କରାଇବେ । ପରେ ଦୋଳିରେ ବସିଥିବା ରାମକୃଷ୍ଣ ଏବଂ ମଦନମୋହନଙ୍କୁ ଓଲ୍ହାଇ ଆଣି ଖଟ ଉପରେ ବିଜେ କରାଇବେ । ଭିତରଚ୍ଛ ମହାପାତ୍ର ନନ୍ଦରାଜା ରୂପରେ ଶ୍ରୀନହରକୁ ଯାଇ ଫେରିବା ପରେ ସ୍ନାନମଣ୍ଡପ ଉପରେ ବସିବେ । ଭରତିଆ ଗୌଡ଼ ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବାର ପରମ୍ପରା ରହିଛି