ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ, ଜାରି ହେଲା ବିଜ୍ଞପ୍ତି

1 min read

ଭୁବନେଶ୍ୱର : ଇତିହାସ ହେଲା ଚୁକ୍ତିଭିତ୍ତିକ ନିଯୁକ୍ତି । ସବୁ ଚାକିରି ହେଲା ନିୟମିତ । ମୁଖ୍ୟମନ୍ତ୍ରୀ ନବୀନଙ୍କ ପଟ୍ଟନାୟକଙ୍କ ଜନ୍ମଦିନ ଭେଟି । ଏନେଇ ଆଜି ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି । ଚୁକ୍ତିଭିତ୍ତିକ ନିଯୁକ୍ତି ଉଠିବା ପରେ ଉପକୃତ ହୋଇଛନ୍ତି ୫୭ ହଜାରରୁ ଅଧିକ କର୍ମଚାରୀ । ସୂଚନାଯୋଗ୍ୟ ଯେ, ଶନିବାର ଦିନ ଏକ ଐତିହାସିକ ଘଟଣାକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚୁକ୍ତିଭିତିକ ନିଯୁକ୍ତିକୁ ଉଠାଇ ଦେଇଥିଲେ ।

ବିଧିବଧ ବିଜ୍ଞପ୍ତି ଜାରି ପରେ ଚୁକ୍ତିଭିତ୍ତିକ କର୍ମଚାରୀ ମହଲରେ ଖୁସିର ଲହରି ଖେଳିଯାଇଛି । ୯ ତାଲାରେ କର୍ମଚାରୀମାନେ ସେଲିବ୍ରେସନ କରିଛନ୍ତି । ଏହାସହ ରାଜ୍ୟ ସରକାର ତଥା ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଗତକାଲି ସଂଧ୍ୟା ସାଢେ ୬ଟାରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଉଦବୋଧନ ଦେଇଥିଲେ । କହିଥିଲେ, ‘ଆପଣମାନଙ୍କ ଆଶୀର୍ବାଦରେ ୨୦୦୦ ମସିହାରେ ମୁଁ ଓଡିଶା ମା’ର ସେବାର ସୁଯୋଗ ପାଇଥିଲି। ମହାବାତ୍ୟା ପର ସ୍ଥିତି ଓ ଦୁର୍ବଳ ଆର୍ଥିକ ଅବସ୍ଥା ମୋ ପାଇଁ ସବୁଠାରୁ ବଡ ଚ୍ୟାଲେଞ୍ଜ ଥିଲା । ରାଜ୍ୟ ଓଭର ଡ୍ରାଫ୍ଟରେ ଚାଲୁଥିଲା । ନିତିଦିନ ଖର୍ଚ୍ଚ ପାଇଁ ସରକାରଙ୍କୁ ରିଜର୍ଭ ବ୍ୟାଙ୍କ ଉପରେ ନିର୍ଭର କରିବାକୁ ପଡୁଥିଲା । ଓଡିଶା ଅର୍ଥନୀତି ପାଇଁ ଏହା ଏକ କଳା ସମୟ ଥିଲା । ରାଜକୋଷ ଖାଲି ଥିଲା । ଅର୍ଥନୀତି ଉପରେ ବହୁତ ଚାପ ଥିଲା । ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମି, କୃଷି, ଜଳସେଚନ ଆଦି ବିଭିନ୍ନ କ୍ଷେତ୍ରରେ ଆମେ ବହୁତ ପଛୁଆ ଥିଲୁ । ବନ୍ୟା ବାତ୍ୟା ମରୁଡ଼ି ଲାଗି ରହି ଥିଲା, ଗରିବୀ ବହୁ ଅଧିକ ଥିଲା ।’

ଆଗକୁ ସେ କହିଥିଲେ, ‘ସୀମିତ ସମ୍ବଳ ଭିତରେ ଏସବୁ କ୍ଷେତ୍ରରେ ଉନ୍ନତି ଆଣିବା ଥିଲା ଆମ ପାଇଁ ସବୁଠାରୁ ବଡ ପ୍ରାଥମିକତା । ସେତେବେଳେ ନିଯୁକ୍ତି ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା । ପୋଷ୍ଟ ସବୁ ଉଚ୍ଛେଦ କରିବାକୁ ପଡୁଥିଲା । ଏହା ମୋ ପାଇଁ ବହୁତ କଷ୍ଟକର ଥିଲା । ମୋ ରାଜ୍ୟର ପିଲାମାନେ ନିଯୁକ୍ତି ନ ପାଇ ହଇରାଣ ହେଉଥିଲେ । ଏହା ମୋତେ ବହୁତ ଦୁଃଖ ଦେଉଥିଲା । ପ୍ରତିଦିନ ମୋ ମନରେ ଚିନ୍ତା ଥିଲା, କେବେ ପରିସ୍ଥିତିରେ ଉନ୍ନତି ଆସିବ ଏବଂ ଆମ ପିଲାମାନେ ରେଗୁଲାର ନିଯୁକ୍ତି ପାଇବେ ?’

ସେ ଆଡୁରି କହିଥିଲେ, ‘ଆପଣମାନଙ୍କର ସହଯୋଗ ଓ ମହାପ୍ରଭୁଙ୍କ ଆଶୀର୍ବାଦ ହିଁ ଆମର ସବୁଠାରୁ ବଡ ଶକ୍ତି । ଉତ୍ତମ ଆର୍ଥିକ ପରିଚାଳନା ଓ ସୁଶାସନ ଜରିଆରେ ହିଁ ଧିରେ ଧିରେ ପରିସ୍ଥିତିରେ ଉନ୍ନତି ଆସିଲା । ୨୦୧୩ରୁ ଆମେ ଚୁକ୍ତିଭିତ୍ତିକ ନିଯୁକ୍ତି ଆରମ୍ଭ କଲୁ । ଏହା ମଧ୍ୟ ମୋ ପାଇଁ ଏକ କଷ୍ଟକର ନିଷ୍ପତ୍ତି ଥିଲା । ଏବେ ଆମ ଅର୍ଥନୀତିରେ ଉନ୍ନତି ଆସିଛି । ବିକାଶ କ୍ଷେତ୍ରରେ ଓଡିଶା ସାରା ଦେଶରେ ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି । ଗତବର୍ଷ ଆମେ ଏହି ଚୁକ୍ତିଭିତ୍ତିକ ନିଯୁକ୍ତିକୁ ପରିବର୍ତ୍ତନ କରି ଇନିସିଆଲ ଆପଏଣ୍ଟି କରିଥିଲୁ । ଆଜି ମୁଁ ଖୁସିର ସହ ଘୋଷଣା କରୁଛି ଯେ ଆଜି ରାଜ୍ୟ କ୍ୟାବିନେଟ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବ୍ୟସ୍ଥାକୁ ସବୁଦିନ ପାଇଁ ଉଚ୍ଛେଦ କରିବାକୁ ନିଷ୍ପତ୍ତି ନେଇଛନ୍ତି ।’

ସେ କହିଥିଲେ, ‘ଏବେ ବି ଅନେକ ରାଜ୍ୟରେ ନିୟମିତ ନିଯୁକ୍ତି ବନ୍ଦ ଅଛି । ଚୁକ୍ତିଭିତ୍ତିକ ନିଯୁକ୍ତି ଚାଲିଛି । ଓଡିଶାରେ ଚୁକ୍ତିଭିତ୍ତିକ ନିଯୁକ୍ତିର ଯୁଗ ଶେଷ ହେଲା । ସବୁ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ ହେବ । ବହୁଦିନ ଧରି ଏ ସୁଦିନକୁ ମୁଁ ଅପେକ୍ଷା କରିଥିଲି । ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ ପାଇବ । ୫୭ ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ । ଏଥିପାଇଁ ହାରାହାରି ୧୩୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ । ସେମାନଙ୍କ ପରିବାର ପାଇଁ ଏହା ଆଗୁଆ ଦୀପାବଳି ଆଣିଛି ।’

ଆଜି ଓଡିଶା ଆତ୍ମବିଶ୍ବାସର ସହ ଆଗକୁ ବଢୁଛି, ସଶକ୍ତ ହେଉଛି। ଓଡିଶା ଇତିହାସର ଏହା ଏକ ସୁବର୍ଣ୍ଣ ମୂହୁର୍ତ୍ତ । ସରକାରୀ କର୍ମଚାରୀଙ୍କୁ ମୋର ଅନୁରୋଧ, ଆପଣମାନେ ସମସ୍ତେ ଭଲ କାମ କରନ୍ତୁ। ନିଷ୍ଠାର ସହ ଲୋକଙ୍କ ସେବା କରନ୍ତୁ । ଦାୟିତ୍ବ ପାଳନ କରିବା ବେଳେ, 5T ଉପକ୍ରମକୁ ଅନୁସରଣ କରନ୍ତୁ । ସରକାରଙ୍କ ପରିଚୟକୁ ଆହୁରି ଉଜ୍ଜଳ କରନ୍ତୁ ଏବଂ ଓଡିଶାର ରୂପାନ୍ତରରେ ନିଜର ଗୁରୁତ୍ବପୂର୍ଣ୍ଣ ଅବଦାନ ରଖନ୍ତୁ ବୋଲି କହିଥିଲେ ।