ଆସନ୍ତାକାଲିଠୁ ବିଧାନସଭା ଶୀତ ଅଧିବେଶନ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭୁବନେଶ୍ବର: ମଙ୍ଗଳବାରଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ନିୟୋଜିତ ହେବେ ୨୮ ପ୍ଲାଟୁନ ଫୋର୍ସ । ୩ ଥାକିଆ ସୁରକ୍ଷା ବଳୟରେ ରହିବ ବିଧାନସଭା । ବିଧାନସଭା ଚାଲୁଥିବା ବେଳେ ସାଧାରଣ ଲୋକଙ୍କ ପାଇଁ ଟ୍ରାଫିକ କଟକଣା କରାଯାଇଛି । ଆନ୍ଦୋଳନକାରୀ ଙ୍କଠାରୁ ଆରମ୍ଭ କରି ସନ୍ଦିଗ୍ଧ, ସମସ୍ତଙ୍କ ଗତିବିଧି ଉପରେ ତୀକ୍ଷ୍ଣ ନଜର ରଖାଯିବ ।

ଆନ୍ଦୋଳନକାରୀ ସାବଧାନ, ମୁଣ୍ଡ ଉପରେ ଉଡିବ ଡ୍ରୋନ୍ । ସିସିଟିଭି ସ୍କାନରରେ ରହିବ ବିଧାନସଭା ଆଖପାଖ ଅଞ୍ଚଳ । ଡିସିପିଙ୍କ ନେତୃତ୍ବରେ ସୁରକ୍ଷା ଦାୟିତ୍ବରେ ରହିବେ ୨୮ ପ୍ଲାଟୁନ ଫୋର୍ସ । ଆସନ୍ତାକାଲି ଠାରୁ ଆରମ୍ଭ ହେବ ଶୀତ କାଳୀନ ଅଧିବେଶନ । ଡିସେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୩ ଥାକିଆ ସୁରକ୍ଷା ବଳୟ ସହ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣି କରାଯିବ ।

ସୁରକ୍ଷା ବ୍ୟବସ୍ଥା ପାଇଁ ୨୮ ପ୍ଲାଟୁନ୍‌ ଫୋର୍ସ ମୁତୟନ ହେବେ। ଏସ୍‌ଓଜି, ଷ୍ଟ୍ରାଇକିଂ ଫୋର୍ସ, ବୋମା ନିଷ୍କ୍ରିୟକାରୀ ଦଳ, କ୍ୟୁଏଟି, ଡଗ୍‌ ସ୍କ୍ବାଡ୍‌, ଅଗ୍ନିଶମ ବିଭାଗ ଆଦି ସବୁ ଦିଗ ଉପରେ ତୀକ୍ଷ୍ଣ ନଜର ରଖାଯିବ । ବିଧାନସଭାଠାରୁ ଆରମ୍ଭ କରି ଲୋୟର ପିଏମ୍‌ଜି, ରବୀନ୍ଦ୍ର ମଣ୍ଡପ ଛକ ଏବଂ ସଂଲଗ୍ନ ରାସ୍ତାରେ ସିସିଟିଭି ଖଞ୍ଜା ଯାଇଛି । ଆନ୍ଦୋଳନକାରୀଙ୍କ ଠାରୁ ଆରମ୍ଭ କରି ସନ୍ଦିଗ୍ଧ, ସମସ୍ତଙ୍କ ଗତିବିଧି ଉପରେ ତୀକ୍ଷ୍ଣ ନଜର ରଖାଯିବ।

ସୁରକ୍ଷାକୁ ଅଧିକ କଡ଼ାକଡ଼ି ପାଇଁ ବିଧାନସଭା ଗେଟ୍‌, ରବୀନ୍ଦ୍ର ମଣ୍ଡପ ଗେଟ୍‌, ଲୋୟର ପିଏମ୍‌ଜି ଆଦି ୫ଟି ସ୍ଥାନରେ ୫ଟି ଅସ୍ଥାୟୀ ପୋଲିସ କଣ୍ଟ୍ରୋଲ ରୁମ୍‌ କରାଯାଇଛି ।‌ ଡିସିପି ପ୍ରତୀକ ସିଂଙ୍କ ନେତୃତ୍ବରେ ୮ ଜଣ ଅତିରିକ୍ତ ଡିସିପି, ୧୬ ଜଣ ଏସିପି, ୨୦ ଜଣ ଇନ୍ସପେକ୍ଟରଙ୍କ ସହ ୧୦୦ ରୁ ଉର୍ଦ୍ଧ ପୋଲିସ କର୍ମଚାରୀ ନିୟୋଜିତ ହେବେ । ବିଧାନସଭା ଚାରିପଟେ ସଶସ୍ତ୍ର ସୁରକ୍ଷା ବାହିନୀ ଅହୋରାତ୍ର ଜଗି ରହିବେ। ବିଧାନସଭା ରୁଫଟଫରେ ରହିବେ ପୋଲିସ । ପ୍ରବେଶ ପଥରେ ଦୁଇଟି ଚେକ୍‌ପୋଷ୍ଟ କରାଯାଇଛି । ବିଧାନସଭାକୁ ସଂଯୋଗ କରୁଥିବା ୫ ଟି ରୁଟକୁ ଡାଇଭର୍ଟ କରାଯାଇଛି ।

ପୋଲିସ୍‌ ଡିଜି ସୁନୀଲ ବଂଶଲଙ୍କ ସହ ପୋଲିସ୍‌ କମିଶନର୍‌ ସୌମେନ୍ଦ୍ର ପ୍ରିୟଦର୍ଶୀ, ଗୁଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଗୁଇନ୍ଦା ଡିଆଇଜି ଅନୁପ ସାହୁ, ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ପ୍ରମୁଖ ଉପସ୍ଥିତ ରହି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଥିଲେ ।