ରାଜ୍ୟରେ ସୃଷ୍ଟି ହେବ ଆହୁରି ନିଯୁକ୍ତି, ୧୨ ବିଭାଗର ୧୭ ପ୍ରସ୍ତାବରେ ବାଜିଲା କ୍ୟାବିନେଟ ମୋହର

1 min read

ଭୁବନେଶ୍ବର: ୧୨ଟି ବିଭାଗର ୧୭ଟି ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍ ମୋହର । ଓଡିଶା ପୋଷାକ ଓ ବୈଷୟିକ ବୟନଶିଳ୍ପ ନୀତି-୨୦୨୨ କ୍ୟାବିନେଟରେ ଅନୁମୋଦନ ଲାଭ କରିଛି । ଏହି ନୀତି ଓଡିଶାରେ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହିତ ଆନୁସଂଗିକ ଶିଳ୍ପ ପ୍ରତିଷ୍ଠାରେ ସହାୟକ ହେବ। ଏହି ନୀତିରେ ପୁଞ୍ଜି ବିନିଯୋଗ ସହାୟତା, ନିଯୁକ୍ତି ସହାୟତା ତଥା ବଜାର ବିକାଶ ସହାୟତା ପାଇଁ ପ୍ରୋତ୍ସାହନର ବ୍ୟବସ୍ଥା ରଖାଯାଇଛି ।

ଓଡ଼ିଶା କାରଖାନା ଓ ବାଷ୍ପିତ୍ର ନିରୀକ୍ଷଣ ସେବା (ନିଯୁକ୍ତି ଓ ସେବା ସର୍ତ୍ତାବଳୀ ସଂଶୋଧନ ନିୟମାବଳୀ-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହି ସେବାର ମୂଳ ପଦବୀ ଆସିଷ୍ଟାଣ୍ଟ ଡାଇରେକ୍ଟର ଚୟନ ଲାଗି ଲିଖିତ ଓ ସାକ୍ଷାତକାର ପରୀକ୍ଷା ଲୋକସେବା ଆୟୋଗ ଦ୍ବାରା କରାଯିବ । ଓଡିଆ ଚଳଚ୍ଚିତ୍ର ‘ଦମନ’କୁ ଟିକସମୁକ୍ତ କରିବା ପାଇଁ ପୂର୍ବ ନିଷ୍ପତ୍ତି କ୍ୟାବିନେଟ ଦ୍ବାରା ଅନୁମୋଦନ ଲାଭ କରିଛି । ନୂତନ ପର୍ଯ୍ୟଟନ ନୀତି-୨୦୨୨କୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି । ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜି ବିନିଯୋଗକୁ ପୋତ୍ସାହିତ କରାଯିବା ସହିତ ସ୍ବାସ୍ଥ୍ୟ ଓ ମେଡିକାଲ ଟୁରିଜିମ୍‌କୁ ପର୍ଯ୍ୟଟନ ଉଦ୍ୟୋଗ ଭାବେ ଅନୁମୋଦନ ଦେବା ପାଇଁ ବ୍ୟବସ୍ଥା ରହିଛି ।

ବିଭିନ୍ନ ପଦବୀରେ ଭର୍ତ୍ତି ପାଇଁ ଥିବା ଶାରୀରିକ ମାନକ ମାପ ଏବଂ ଶାରୀରିକ ଦକ୍ଷତା ପରୀକ୍ଷା ପାଇଁ ସମନ୍ବିତ ନିଯୁକ୍ତି ପ୍ରକ୍ରିୟାର ନିୟମାବଳୀ-୨୦୨୨କୁ ରାଜ୍ୟ କ୍ୟାବିନେଟର ଅନୁମୋଦନ କରିଛି । ଜୁନିଅର ଷ୍ଟେନୋଗ୍ରାଫର, ଜୁନିଅର ଟାଇପିଷ୍ଟ, ଡାଟା ଏଣ୍ଟ୍ରି ଅପରେଟର ଓ ଜୁନିଅର କ୍ଳର୍କ-କମ୍‌-ଟାଇପିଷ୍ଟ ପଦବୀ ପାଇଁ ମିଳିତ ନିଯୁକ୍ତି ପରୀକ୍ଷା ନିୟମାବଳୀ-୨୦୨୨କୁ ରାଜ୍ୟ କ୍ୟାବିନେଟର ଅନୁମୋଦନ କରିଛି । ଏହାଦ୍ବାରା ଏହି ପରୀକ୍ଷା ଗୁଡିକ ସୁବ୍ୟବସ୍ଥିତ ହେବା ସହିତ ପରୀକ୍ଷାର୍ଥୀ ଓ ରାଜ୍ୟ ସରକାରଙ୍କ ବ୍ୟୟ ଭାର ହ୍ରାସ ପାଇବ।

ସେହିପରି ଅମଳ ପରବର୍ତ୍ତୀ କ୍ଷତି ଏବଂ ଉଦ୍ୟାନ କୃଷି ଉତ୍ପାଦର ବ୍ରାଣ୍ଡିଂ, ପ୍ୟାକେଜିଂ ଓ ମାର୍କେଟିଂ କ୍ଷେତ୍ରକୁ ସହାୟତା ଯୋଗାଇବା ସହ କୃଷକ ମାନଙ୍କୁ ଆର୍ଥିକ ସହାୟତା ଦେବା ଉଦ୍ଦେଶ୍ୟରେ ଅମଳ ପରବର୍ତ୍ତୀ ପରିଚାଳନା ଏବଂ ଉଦ୍ୟାନ କୃଷିର ଅମଳ ପରବର୍ତ୍ତୀ ବିପଣନରେ ସହାୟତା ଯୋଜନାଟି କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଓଡ଼ିଶାରେ ସଂଯୋଜନ କ୍ଷେତ୍ରର ବିକାଶ ପାଇଁ ଓଡିଶା ଲଜିଷ୍ଟିକ ପଲିସି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହା ବାଣିଜ୍ୟ ଓ ବାଣିଜ୍ୟ ପାଇଁ ଉପଯୁକ୍ତ ଗନ୍ତବ୍ୟସ୍ଥଳ ଭାବରେ ରାଜ୍ୟର ସ୍ଥିତିକୁ ସୁଦୃଢ କରିବ ଏବଂ ଯୋଗାଣ ଶୃଙ୍ଖଳକୁ ମଧ୍ୟ ମଜବୁତ କରିବ।

ଓଡିଶା ବେସାମରିକ ବିମାନ ଚଳାଚଳ ନୀତି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଯାନବାହନ ଜନିତ ବାୟୁ ପ୍ରଦୁଷଣ କମ୍‌ କରିବାରେ ଏହି ନୀତି ପ୍ରମୁଖ ଭୂମିକା ଗ୍ରହଣ କରିବ। ଏହାଦ୍ବାରା ୧୫ ବର୍ଷ ପୂରଣ କରିଥିବା ସମସ୍ତ ପୁରୁଣା ଗାଡିକୁ ସ୍କ୍ରାପିଂ କେନ୍ଦ୍ରରେ ସ୍କ୍ରାପ କରିବାକୁ ପଡିବ। ଓଡିଶା ଅକ୍ଷୟ ଶକ୍ତି ନୀତି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଶିଳ୍ପ ନୀତି-୨୦୨୨କୁ ମଧ୍ୟ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି। ରାଜ୍ୟରେ ବଡ ଧରଣର ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ଓଡିଶାକୁ ପୂର୍ବ ଭାରତର ଶିଳ୍ପ ହବ୍ କରିବା ଉପରେ ଏଥିରେ ଗୁରୁତ୍ବ ଆରୋପ କରାଯାଇଛି ।

ଓଡିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଓଡିଶା ରପ୍ତାନୀ ପଲିସି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି। ଏହି ନୀତି ଅନୁଯାୟୀ ରପ୍ତାନୀ ପ୍ରତିଯୋଗିତାରେ ଉନ୍ନତି ଆଣିବା ସହ ଓଡିଶାକୁ ଭାରତର ୫ଟି ଶ୍ରେଷ୍ଠ ରାଜ୍ୟରେ ସାମିଲ କରିବା । ଓଡିଶା ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଆସିଥିବା ବିଶୁଦ୍ଧ ପାନୀୟ ଜଳଯୋଗାଣ ସଂକ୍ରାନ୍ତୀୟ ଦୁଇଟି ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ଭୂଅର୍ଜନ ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ବଚ୍ଛତା ଆଇନ-୨୦୧୩ର ଧାରା-୨ର ଉପଧାରା-୨, ଧାରା-୧୪, ୧୯, ୨୪, ୨୫, ୪୬ ଓ ୮୭ର ସଂଶୋଧନକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି ।