ବୁଲିଲା 5T ଛାଟ; ବିଦା ହେଲେ ଆଉ ୯ ଦୁର୍ନୀତିଗ୍ରସ୍ତ ଅଧିକାରୀ

1 min read

ଭୁବନେଶ୍ୱର: ପୁଣି ବୁଲିଲା ଫାଇଭ-ଟି ଛାଟ । ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ୯ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ । ୫ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ୨ ଜଣଙ୍କୁ ଚାକିରୀରୁ ବହିଷ୍କାର କରିାଯିବା ସହ ୨ ଜଣଙ୍କ ପେନ୍‌ସନ୍‌ ସ୍ଥାୟୀଭାବେ ବନ୍ଦ କରାଯାଇଛି । ଏମାନଙ୍କ ଭିତରେ ଜଣେ ସୁପରିନ୍‌ଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଏକଜିକ୍ୟୁଟିଭ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଜୁନିଅର ଇଞ୍ଜିନିୟର, ଜଣେ ଓ.ଏ.ଏସ୍ ଅଧିକାରୀ, ଜଣେ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ ଏବଂ ଜଣେ ସାମାଜିକ ଶିକ୍ଷା ସଂଗଠକ ଅଛନ୍ତି ।

ଏହି ୯ ଜଣଙ୍କୁ ମିଶାଇ ଏପର୍ଯ୍ୟନ୍ତ ସମୁଦାୟ ୧୭୩ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେଲାଣି । କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଅଧିକାରୀଙ୍କ ଭିତରେ ଅଛନ୍ତି ମାଲକାନଗିରିର ଗ୍ରାମ୍ୟ ଉନ୍ନୟନ ଡିଭିଜନ-୧ର ପୂର୍ବତନ ସୁପରିଟେଣ୍ଡିଂ ଇଞ୍ଜିନିୟର ଆଶିଷ କୁମାର ଦାଶ । ଭଦ୍ରକ ଗ୍ରାମ୍ୟ ଉନ୍ନୟନ ଡିଭିଡନ-୧ର ପୂର୍ବତନ ଏକ୍‌ଜ୍ୟୁକିଟିଭ ଇଞ୍ଜିନିୟର ମାନସ ରଂଜନ ମହାନ୍ତି । କଟକ ଗଣ୍ଡରପୁର ଡ୍ରେନେଜ୍‌ ଡିଭିଜନର ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ମନୋଜ କୁମାର ବେହେରା ସେହିପରି କେନ୍ଦୁଝର ଜିଲ୍ଲା ସାଳପଡାସ୍ଥିତ ବୈତରଣୀ ଜଳସେଚନ ଡିଭିଜନର ଆସିଷ୍ଟାଣ୍ଟ ଇଞ୍ଜିନିୟର ଉମେଶ କୁମାର ଶାଶିନୀ ଅଛନ୍ତି । ଉମରକୋଟ ସଡକ ଓ କୋଠାବାଡି ଆସିଷ୍ଟାଣ୍ଟ ଇଞ୍ଜିନିୟର ବିଶୁଦ୍ଧାନନ୍ଦ ବେହେରା । ପାରଳାଖେମୁଣ୍ଡିର ଅବସରପ୍ରାପ୍ତ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ ଜଳଧର ମଲ୍ଲିକ ଏବଂ ବାଲେଶ୍ବର ଜିଲ୍ଲାରେ ଡେପୁଟି କଲେକ୍ଟର ସବିତା ସାହୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ବଲାଙ୍ଗୀର ଜିଲ୍ଲାର ପୂର୍ବତନ ସାମାଜିକ ଶିକ୍ଷା ସଂଗଠକ ପ୍ରଭାସିନୀ ବାବୁ ଏବଂ ଗଞ୍ଜାମ ଜିଲ୍ଲା ରୁରାଲ ୱାର୍କ୍ସ ଡିଭିଜନ-୨ର ଜୁନିଅର ଇଞ୍ଜିନିୟର ତ୍ରିନାଥ ସେଠୀଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।