ଦିନ ୧୧ଟାରୁ ୩ଟା ପିକ୍‌ ଆୱାର, ୧୬ରୁ ବଦଳିପାରେ ପାଗ

1 min read

ଭୁବନେଶ୍ବର: ରାଜ୍ୟରେ ପ୍ରତିଦିନ ରେକର୍ଡ ଭାଙ୍ଗୁଛି ତାତି । ରାଜ୍ୟରେ ଜାରି ହୋଇଛି ତାତିର ଅଘୋଷିତ କର୍ଫ୍ୟୁ । ଜଳୁଛି ଉତ୍ତର, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶା । ଆଜିଠୁ ରାଜ୍ୟରେ ଆହୁରି ବଢିବ ତାତି । ଏଥିପାଇଁ ୪ଟି ଜିଲ୍ଲା ବାଲେଶ୍ବର, ମୟୁରଭଞ୍ଜ, ସୁନ୍ଦରଗଡ ଏବଂ କେନ୍ଦୁଝରକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୪ ତାରିଖରେ ୮ଟି ଜିଲ୍ଲା ଏବଂ ୧୫ ତାରିଖରେ ୯ ଜିଲ୍ଲାକୁ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ସତର୍କତା ଜାରି କରାଯାଇଛି ।

ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ୪୦ ରୁ ୪୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ରେକର୍ଡ ହୋଇପାରେ । ସେହିଭଳି ଉପକୂଳ ଓଡ଼ିଶାର ଖୋର୍ଦ୍ଧା, ପୁରୀ, ନୟାଗଡ, ଜଗତସିଂହପୁର, ଯାଜପୁର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାରେ ମଧ୍ୟ ତାତି ୪୦ ଡିଗ୍ରୀ ଅତିକ୍ରମ କରିବ । ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପିକ୍ ଆଓ୍ବାର ଘୋଷଣା କରିଛି ପାଣିପାଗ କେନ୍ଦ୍ର ।

ଜରୁରୀ କାମ ନ ଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି । ମେଘମୁକ୍ତ ଆକାଶ, ସୂର୍ଯ୍ୟଙ୍କ ପ୍ରଖର କିରଣ, ବାୟୁମଣ୍ଡଳରେ ଜଳୀୟବାଷ୍ପ ପରିମାଣ ହ୍ରାସ ଏବଂ ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ପ୍ରବାହିତ ହେଉଥିବା ଗରମ ଶୁଷ୍କ ପବନ ପାଇଁ ଏଭଳି ସ୍ଥିତି ସୃଷ୍ଟି ହୋଇଛି । ଗତକାଲି ଝାରସୁଗୁଡା ବିଶ୍ବର ପଞ୍ଚମ ଉତ୍ତପ୍ତ ସହର ହୋଇଥିଲା । ଅନ୍ୟପଟେ ୧୬ ତାରିଖରେ ପାଗରେ ପରିବର୍ତ୍ତନ ହେବା ସହ ରାଜ୍ୟର କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରୁ ରାଜ୍ୟକୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହିତ ହେବ । ପ୍ରଭାବରେ ଉତ୍ତର ଉପକୂଳ ସହ ଖୋର୍ଦ୍ଧା,ନୟାଗଡା, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ମୟୁରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ।