ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଆକ୍ତାମାକ୍ତା କରିବ କୁହୁଡି

ନନ୍ଦିଘୋଷ ବ୍ୟୁରୋ: ଘନ କୁହୁଡିରୁ ଏବେ ମିଳିବନି ନିସ୍ତାର । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ପୁଣି ଆକ୍ତାମାକ୍ତା କରିବ କୁହୁଡି । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଏଭଳି ସ୍ଥିତି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ପାଇଁ ୧୪ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସୁନ୍ଦରଗଡ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ନବରଙ୍ଗପୁର, କେରାପୁଟ କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ୨୮ ତାରିଖରେ ବି ଘନ କୁହୁଡି ନେଇ କେନ୍ଦ୍ରାପଡା, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ନବରଙ୍ଗପୁର, କୋରାପୁଟ,  କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୫୦ ମିଟରରୁ କମ୍ ରହିବ ଭିଜିବିଲିଟି । କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ହେବାର ସମ୍ଭାବନା ରହିଛି । ଘନ କୁହୁଡି ସମୟରେ ସଂପୃକ୍ତ ଜିଲ୍ଲାର ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳାଚଳ ବନ୍ଦ ରଖିବା ପାଇଁ ପରାମର୍ଶ ଦିଆଯାଇଛି । ବର୍ତ୍ତମାନ ରାଜ୍ୟକୁ ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଥିବାରୁ କୁହୁଡି ମାତ୍ରା ବୃଦ୍ଧି ପାଉଛି । ସେପଟେ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । କିନ୍ତୁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । କିଛି ଜିଲ୍ଲାରେ ଦିନର ତାପମାତ୍ରା ସାମାନ୍ୟ ବୃଦ୍ଧି ହେବା ନେଇ ଆକଳନ କରାଯାଇଛି । ଗତ ୨୪ ଘଣ୍ଟାରେ ବାଲେଶ୍ବର, କଟକ, ପରାଦୀପ, ଗୋପାଳପୁର, ଅନୁଗୁଳ, କେନ୍ଦୁଝର, ଛତ୍ରପୁର, ଢେଙ୍କାନାଳ ଏବଂ ଖୋର୍ଦ୍ଧାରେ ଘନ କୁହୁଡି ଦୃଶ୍ୟମାନ ହୋଇଛି । ଏହି ସବୁ ଜିଲ୍ଲାରେ ୫୦ ମିଟରରୁ କମ୍ ଭିଜିବିଲିଟି ରହିଥିଲା । ସେହିପରି ଜି ଉଦୟଗିରିରେ ସର୍ବନିମ୍ନ ୮.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।