ନିଯୁକ୍ତି ପାଇବେ୨୦ ହଜାର ପ୍ରାଥମିକ ଶିକ୍ଷକ, ୧୩ରୁ ଆବେଦନ କରିବେ ଆଶାୟୀ

1 min read

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ଯୋଜନାଭିତ୍ତିକ (ସିମାଟିକ୍‌) ନିଯୁକ୍ତି ପାଇଁ ଓଡି଼ଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ୱେବସାଇଟ୍‌ରେ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୧୩ ତାରିଖରୁ ଆଶାୟୀ ପ୍ରାର୍ଥୀମାନେ ଓସେପା ୱେବସାଇଟ୍‌ରେ ଶିକ୍ଷକ ପଦବୀ ପାଇଁ ଆବେଦନ କରିପାରିବେ ।

ଆବେଦନର ଶେଷ ସମୟ ଆସନ୍ତା ଅକ୍ଟୋବର ୧୦ ତାରିଖ । କିଛି ବର୍ଷ ବ୍ୟବଧାନରେ ବ୍ୟାପକ ସଂଖାରେ ଏହି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାପରେ ରାଜ୍ୟର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦୂର ହେବ । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସୁଦୃଢ଼ ହେବ ।

ବିଭାଗ ଅଧୀନରେ ହେବାକୁ ଥିବା ଏହି ୨୦ ହଜାର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ଅନ୍‌ଲାଇନ୍‌ରେ କରାଯିବ । କମ୍ପ୍ୟୁଟର ବେସଡ୍ ଟେଷ୍ଟ (ସିବିଟି) ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ଆଶାୟୀ ପ୍ରାର୍ଥୀଙ୍କୁ ଚୟନ କରାଯିବ । ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲା ଅନୁସାରେ ଜିଲ୍ଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକ (ସିମାଟିକ୍‌)ଙ୍କୁ ନିଯୁକ୍ତି ଦିଆଯିବ । ଓସେପାରେ ୱେବସାଇଟ୍‌ରେ ନିଯୁକ୍ତି ପାଇଁ ଜିଲ୍ଲାୱାରୀ ପଦବୀ, ଲିଖିତ ପରୀକ୍ଷାର ସିଲାବସ୍‌, କେଉଁ କେଉଁ ତଥ୍ୟ ଅପଲୋଡ୍ କରାଯିବ ଆଦି ସବିଶେଷ ବିବରଣୀ ଉପଲବ୍ଧ ରହିଛି ।

ଓସେପାର ୱେବସାଇଟ୍ (https://osepa.odisha.gov.in) ରେ ଆଶାୟୀମାନେ ଆବେଦନ କରିବେ । ଏହା ବ୍ୟତୀତ ଅନ୍ୟକୌଣସି ମାଧ୍ୟମରେ ଆବେଦନକୁ ସ୍ୱୀକାର କରାଯିବ ନାହିଁ । ଆଶାୟୀମାନେ ଉପଯୁକ୍ତ ଇମେଲ୍ ଆଇଡି ଏବଂ ମୋବାଇଲ୍ ନମ୍ବର ଦେଇ ନିଜ ନାମ ପଞ୍ଜୀକରଣ କରିବେ । ଏହା ପରେ ଆବଶ୍ୟକ ତଥ୍ୟ ଅପଲୋଡ୍ କରି ଆବେଦନ କରିବେ । ଅନ୍‌ଲାଇନ୍‌ରେ ଆବେଦନ କରିବା ସମୟରେ ଯଦି କୌଣସି ସମସ୍ୟା ଦେଖାଯାଏ, ତେବେ ଆଶାୟୀମାନେ ହେଲ୍ପଡେସ୍କ୍‌ର ୭୩୫୩୯୨୭୭୭୯ ନମ୍ବରରେ ସୋମବାରଠୁ ଶୁକ୍ରବାର ପର୍ଯ୍ୟନ୍ତ ପୂର୍ବାହ୍ଣ ୧୦ଟାରୁ ଅପରାହ୍ଣ ୫ଟା ମଧ୍ୟରେ ଯୋଗାଯୋଗ କରିପାରିବେ ।