ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ସରପଞ୍ଚଙ୍କୁ ପୁଣି ମିଳିବ ଜିଲ୍ଲାପାଳ କ୍ଷମତା, କୋଭିଡରେ ମୃତ୍ୟୁ ହେଲେ ଏହି ସୁବିଧା…

1 min read

ଭୁବନେଶ୍ୱର: କରୋନା ବିରୋଧରେ  ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକ ଅନେକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ବୈଠକରେ ଯୋଗଦେବା ସହ  କହିଛନ୍ତି ଯେ ଗତ ଏକ ମାସରୁ ଉର୍ଦ୍ଧ୍ବ ସମୟ ଧରି ଓଡିଶାରେ ସଂକ୍ରମଣ ବଢୁଛି । ମହାପ୍ରଭୁଙ୍କ ଆଶୀର୍ବାଦରୁ ଆମେ ପରିସ୍ଥିତିକୁ ମୋଟାମୋଟି ଭାବରେ ନିୟନ୍ତ୍ରଣରେ ରଖିବା ସହ ରୋଗୀକୁ ସେବା ଯୋଗାଇ ଦେବା ଦିଗରେ କାମ କରିଚାଲିଛୁ । ଆମ ପ୍ରଶାସନ ଓ ସ୍ବାସ୍ଥ୍ୟକର୍ମୀ ମାନେ ଯେପରି ଦିନରାତି କାମ କରିଚାଲିଛନ୍ତି, ସେଥିପାଇଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ସେମାନଙ୍କର ଉଚ୍ଚପ୍ରଶଂସା କରିଥିଲେ ।

କୋଭିଡ ସଂକ୍ରମଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପତ୍ନୀ ଏବଂ ବାପା-ମାଙ୍କୁ ହରାଇ ଥିବା ପିଲାଙ୍କୁ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ସାମିଲ କରାଯିବ ବୋଲି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ  । ସେହିପରି ଗତବର୍ଷ ପରି ସରପଞ୍ଚମାନେ ଜିଲ୍ଲାପାଳ ଦାୟିତ୍ୱ ଫେରିପାଇବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ।  କୋଭିଡ ପରିଚାଳନାରେ ଗୋଷ୍ଠୀକୁ ମୁଖ୍ୟ ସ୍ତମ୍ଭ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆରମ୍ଭରୁ ହିଁ ଗ୍ରାମ ପଞ୍ଚାୟତ ଓ ଗାଁ କଲ୍ୟାଣ ସମିତି ଏଥିରେ ସାମିଲ ଅଛନ୍ତି ।

ଲୋକଙ୍କୁ ସେବା ଯୋଗାଇବା ପାଇଁ ANM, ଆଶା, ଅଙ୍ଗନବାଡି କର୍ମୀ ଓ ମିଶନ ଶକ୍ତି ଗୋଷ୍ଠୀ ଆଦି ସମସ୍ତଙ୍କୁ ସାଥିରେ ନେଇ କୋଭିଡ ପରିଚାଳନା କାମ ଜାରି ରହିଛି  ।ଆସନ୍ତା ମଇ ୨୪ ତାରିଖରୁ ୩ ମାସ ପାଇଁଁ ସାରା ରାଜ୍ୟରେ ଆଶା ଓ ANM ମାନେ ଘରକୁ ଘର ବୁଲି କୋଭିଡ ଲକ୍ଷଣ ଓ ଜଟିଳ ରୋଗ ସଂପର୍କରେ ସର୍ଭେ କରିବେ ।ଏଥିପାଇଁ ସେମାନଙ୍କୁ ୩ ମାସ ପାଇଁ ମାସିକ ୧୦୦୦ ଟଙ୍କା ଲେଖାଏ ପ୍ରୋତ୍ସାହନ ରାଶି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ସେହିପରି ପ୍ରତି ଗାଁ ରେ ଥିବା ଗାଁ କଲ୍ୟାଣ ସମିତି ମାନଙ୍କୁ ମଧ୍ୟ କୋଭିଡ ନିୟନ୍ତ୍ରଣ ପାଇଁ ବିଭିନ୍ନ କାର୍ଯ୍ୟ ନିମନ୍ତେ ୧୦ ହଜାର ଟଙ୍କା ସହାୟତା ଦିଆଯିବ  । ଅନ୍ୟପଟେ  ଗୃହ ସଂଗରୋଧ ତଦାରଖ ଦାୟିତ୍ବରେ ଥିବା ଆଶାକର୍ମୀ ମାନଙ୍କୁ ମଧ୍ୟ ବାଇସାଇକେଲ, ଚପଲ, ଛତା, ଟର୍ଚ୍ଚ ଓ କପ୍‌ବୋର୍ଡ ଆଦି ପାଇଁ ଏକକାଳୀନ ୧୦ ହଜାର ଟଙ୍କା ସହାୟତା ଦିଆଯିବ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ।

ଲକ୍‌ଡାଉନ କାର୍ଯ୍ୟକାରୀ କରିବା ଏବଂ ଗାଁର ଆବଶ୍ୟକତାକୁ ଦେଖି ଗାଁରେ TMC ଖୋଲିବା ବିଷୟ ନେଇ ସରପଞ୍ଚମାନେ ସେମାନଙ୍କର ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରିପାରିବେ । ଗତବର୍ଷ ତୁଳନାରେ ଏ ବର୍ଷ ଅନ୍ୟ ରାଜ୍ୟକୁ ଫେରୁଥିବା ଲୋକଙ୍କ ସଂଖ୍ୟା କମ୍‌ ଥିଲେ ମଧ୍ୟ ସରକାର ଜୋନାଲ TMC ଆରମ୍ଭ କରି ସାରିଛନ୍ତି। ସେହିପରି ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ସୁଦୃଢ କରିବା ସହିତ ICU-HDU ଶଯ୍ୟାରେ ବୃଦ୍ଧି କରାଯାଇଛି । ପ୍ରତି ଜିଲ୍ଲାରେ ଅକ୍ସିଜେନ ସଂଯୁକ୍ତ ଶଯ୍ୟାର ବ୍ୟବସ୍ଥା ମଧ୍ୟ କରାଯାଇଛି ।

ତ୍ରୁଟିଶୂନ୍ୟ ଅକ୍ସିଜେନ  ଯୋଗାଣ ପାଇଁ ଅଧିକ  ସିଲିଣ୍ଡର, refilling ଓ ପରିବହନ କାର୍ଯ୍ୟ ତଦାରଖ କରାଯାଉଛି । ମୁଖ୍ୟ ଡାକ୍ତରଖାନା ଗୁଡିକରେ ଅକ୍ସିଜେନ ପ୍ଲାଣ୍ଟ ପ୍ରତିଷ୍ଠା ସହ  ସିଲିଣ୍ଡର ମଧ୍ୟ ଆମଦାନୀ କରାଯାଉଛି । ଜରୁରୀ ଔଷଧ ଓ ଅକ୍‌ସିଜେନ ଯୋଗାଣରେ ଯେପରି ଅସୁବିଧା ନ ହୁଏ, ସେଥିପ୍ରତି ସରକାର ଦୃଷ୍ଟି ଦେଇଛନ୍ତି  ।
ନିଜ ରାଜ୍ୟର ଚାହିଦା ପୂରଣ ସହିତ  ଓଡିଶା ଅନ୍ୟ ରାଜ୍ୟକୁ ମଧ୍ୟ ଅକ୍ସିଜେନ ଯୋଗାଇ ବହୁ ମୂଲ୍ୟବାନ ଜୀବନ ରକ୍ଷା କରିପାରୁଛି । ଏହା ଓଡିଶା ପାଇଁ ନିଶ୍ଚିତ ଭାବରେ ଗୌରବର କଥା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ସେହିପରି ଅନ୍ୟ ରାଜ୍ୟକୁ ଅକ୍ସିଜୋନ ଯୋଗାଣ କରିବା ପାଇଁ ସରକାର ଟାକ୍ସଫୋର୍ସ ଗଠନ କରିଛନ୍ତି  । ଏହି ଲଢେଇରେ ସ୍ବାସ୍ଥ୍ୟ କର୍ମୀ ଓ ଡାକ୍ତରମାନଙ୍କ ସବୁଠାରୁ ଗୁରୁ ଦାୟିତ୍ୱ ଥିବାରୁ ଏ କ୍ଷେତ୍ରରେ ମାନବ ସମ୍ବଳ ବୃଦ୍ଧି ଉପରେ ଗୁରୁତ୍ୱ ଦିଆଯାଇଛି ଏବଂ ୭୮୬ ଡାକ୍ତର ଓ ୫୧୩୭ ପାରାମେଡିକାଲ ଷ୍ଟାଫଙ୍କୁ ଇତି ମଧ୍ୟରେ ନିଯୁକ୍ତି ଦିଆଯାଇଛି । ଏହାସହିତ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ଚୁକ୍ତିଭିତ୍ତିକ ନିଯୁକ୍ତି ଦେବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି ।

ଓଡିଶାର ଲୋକଙ୍କୁ ମାଗଣା ପରୀକ୍ଷା ଓ ରୋଗୀଙ୍କୁ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଆଉଛି। ଘରୋଇ ଡାକ୍ତରଖାନା ମାନଙ୍କୁ ସାଥିରେ ନେଇ କୋଭିଡ ରୋଗୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦିଆଯାଉଛି। ଏହାଦ୍ବାରା ରୋଗୀ ଶୀଘ୍ର ଚିକିତ୍ସା ସେବା ପାଉଛନ୍ତି ଓ ସାରା ଦେଶରେ ଓଡିଶାର ମୃତ୍ୟୁ ହାର ସେଥିପାଇଁ କମ୍‌ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଲୋକଙ୍କୁ ସତର୍କ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହୁଏତ ଆଗକୁ କୋଭିଡର ଅନେକ ଲହର ଆସିପାରେ । ତେଣୁ ଆମକୁ ଦୀର୍ଘ ଲଢେଇ ପାଇଁ ପ୍ରସ୍ତୁତ ରହିବାକୁ ହେବ। କରୋନା ବିରୁଦ୍ଧରେ ସଫଳ ଲଢେଇ ପାଇଁ ଟିକାକରଣ ଆମର ମୁଖ୍ୟ ରଣକୌଶଳ ହେବ ବୋଲି କହିଛନ୍ତି  ।

Leave a Reply