ଆସନ୍ତା ୪ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ବର : ଆସନ୍ତା ୪ ଦିନ ଯାଏଁ ରାଜ୍ଯରେ ହେବ ପ୍ରବଳରୁ ଅତିପ୍ରବଳ ବର୍ଷା । ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର ବଂଲାଦେଶ ଏବଂ ଏହାର ଆଖପାଖରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଥିବା ବେଳେ ଝାଡଖଣ୍ଡ ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାସହ ଉତ୍ତର ବଙ୍ଗୋପସାଗର ଏବଂ ଆଖପାଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି  । ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ କେନ୍ଦୁଝର ଏବଂ ମୟୂରଭଞ୍ଜକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ଦୁଇ ଜିଲ୍ଲାରେ ୭୦ରୁ ୨ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ସେହିଭଳି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଗଞ୍ଜାମ, ଗଜପତି, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ । କାଲି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୬ଟି ଜିଲ୍ଲା କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଯାଜପୁର, ଅନୁଗୁଳ ଏବଂ ଢେଙ୍କାନାଳକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା, ନୟାଗଡ, ପୁରୀ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ରାୟଗଡା, ଗଜପତି, ଗଞ୍ଜାମ ଏବଂ ଦେବଗଡ ସତର୍କତା ଜାରି ହୋଇଛି ।  ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଫଳରେ ମହାନଦୀ ଆହୁରି ଫୁଲିବା ସମ୍ଭାବନା ରହିଛି ।