ଲଘୁଚାପରେ ପରିଣତ ହେଲା ଘୂର୍ଣ୍ଣିବଳୟ, ୨ ଦିନ ପ୍ରବଳ ବର୍ଷା

1 min read

ଭୁବନେଶ୍ବର: ଲଘୁଚାପରେ ପରିଣତ ହେଲା ଉତ୍ତର ବଙ୍ଗୋପସାଗରେ ସୃଷ୍ଟ ଘୂର୍ଣ୍ଣିବଳୟ । ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ସମୁଦ୍ର ମଧ୍ୟରେ ଲଘୁଚାପ କେନ୍ଦ୍ରୀଭୁତ ହୋଇଛି । ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏହା ସହ ପ୍ରବଳ ବର୍ଷା ନେଇ ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆଜି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳହାଣ୍ଡି, ନୂଆପଡା, ବଲାଙ୍ଗିର, ବରଗଡ, ସମ୍ବଲପୁର, ସୋନପୁର, ବୌଦ୍ଧ, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

୭ ତାରିଖରେ ୧୩ ଜିଲ୍ଲା, ଏବଂ ୮ ତାରିଖରେ ୭ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର । ୯ ତାରିଖ ପରେ ରାଜ୍ୟରେ ପାଗ ବଦଳିଲେ ମଧ୍ୟ ଅଧିକାଂଶ ଜିଲ୍ଲାରେ ଆକାଶ ମେଘୁଆ ରହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ତେବେ ୧୧ ରୁ ୧୩ ତାରିଖ ମଧ୍ୟରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା ନେଇ ଆକଳନ କରାଯାଇଛି । ସେପଟେ ମୌସୁମୀ ସିଜିନ୍ ଜୁନ୍ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧୪ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।