ଏବେ ତାତୁଛି, ଆଗକୁ ଜଳିବ ଓଡ଼ିଶା; ଗରମ ଓ ଗୁଳୁଗୁଳିରେ ଆଉଟୁ ପାଉଟୁ ହେବେ ଲୋକ

ନନ୍ଦିଘୋଷ ବ୍ୟୁରୋ : ଉପକୂଳରେ ଉପରମୁହାଁ ପାରଦ । ସ୍ବାଭାବିକ ଠାରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ତାପମାତ୍ରା ରେକର୍ଡ । ଆସନ୍ତା ଶନିବାର ଠାରୁ ରାଜ୍ୟରେ ଅହେତୁକ ଭାବରେ ବଢିବ ତାତି । ସ୍ବାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ସର୍ବନିମ୍ନ ତାପମାତ୍ରା ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମ୍ ରହିଥିବା ବେଳେ ଦିନରେ ଡହ ଡହ ଖରାରେ ସିଝୁଛନ୍ତି ଲୋକେ । ବିଶେଷ କରି ସମ୍ବଲପୁର, ବରଗଡ, ଝାରସୁଗୁଡା, ସୋନପୁର, ବଲାଙ୍ଗିର, ନୂଆପଡା, ଗଜପତି ଜିଲ୍ଲାରେ ପାରଦ ଉପରମୁହାଁ ହୋଇଛି । ଉପକୂଳ ଓଡ଼ିଶା ସମେତ ଅନୁଗୁଳ ଏବଂ ଢେଙ୍କାନାଳରେ ଏବେ ତାତି ଅସମ୍ଭାଳ ହୋଇଥିବା ବେଳେ ଆସନ୍ତା ୧୯ ତାରିଖ ମଧ୍ୟରେ ସାଂଘାତିକ ତାତି ଅନୁଭୁତ ହେବ ବୋଲି ପାଣିପାଗ କେନ୍ଦ୍ର କହିଛି । ବର୍ତ୍ତମାନ ରାଜ୍ୟରେ ପାଗ ଶୁଖିଲା ରହିବା ସହ ମେଘମୁକ୍ତ ଆକାଶ ପାଇଁ ତାତି ବୃଦ୍ଧି ପାଉଛି । ଏହାସହ ରାଜ୍ୟକୁ ସାମୁଦ୍ରିକ ପବନ ପ୍ରବାହରେ ବ୍ରେକ୍ ଲାଗିଛି । ତେବେ ତାତି ସହ ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର ।