ଆକାଶରୁ ଖସୁଛି ବଜ୍ର, ୬ ଦିନ ପର୍ଯ୍ୟନ୍ତ ମିଳିବନି ନିସ୍ତାର

ନନ୍ଦିଘୋଷ ବ୍ୟୁରୋ : ସାବଧାନ ! ଆକାଶରୁ ଖସୁଛି ବଜ୍ର । ପ୍ରଚଣ୍ଡ ବିଜୁଳି ଘଡଘଡି ସହ ଝଡ ବର୍ଷା ନେଇ ସତର୍କତା ଜାରି କଲା ପାଣିପାଗ କେନ୍ଦ୍ର । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ପଡିବ ବଡ ପ୍ରଭାବ । ୨୪ ଘଣ୍ଟା ପର୍ଯ୍ୟନ୍ତ ୨୫ ଜିଲ୍ଲାକୁ ଆଲର୍ଟ । ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ଏବଂ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ବହିବ ପବନ । ୮ ଜିଲ୍ଲାରୁ ଅରେଞ୍ଜ, ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବଜ୍ରପାତ ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି ।

ଗାଙ୍ଗେଟି ଓ୍ବେଷ୍ଟବେଙ୍ଗଲରୁ ଓଡ଼ିଶା ମଧ୍ୟ ଦେଇ ତେଲେଙ୍ଗାନା ପର୍ଯ୍ୟନ୍ତ ଲମ୍ବିଥିବା ନିମ୍ନ ଚାପରେଖା ପ୍ରଭାବରେ ରାଜ୍ୟରେ ପାଗ ବଦଳିବା ସହ ବଜ୍ରପାତ ଜାରି ରହିଛି । ଆସନ୍ତା ୬ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ବଜ୍ରପାତକୁ ଦୃଷ୍ଟିରେ ରଖି ଏସ୍ଆରସି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି । ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ସହ ଲୋକଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

କାଲି ସକାଳ ପର୍ଯ୍ୟନ୍ତ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ ଏବଂ ଯାଜପୁରକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଘଡଘଡି ସହ କୁଆପଥର ବୃଷ୍ଟି ନେଇ ଚେତାବନୀ ଦିଆଯାଇଛି । ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ନେଇ ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ବୌଦ୍ଧ, ସୋନପୁର, ସମ୍ବଲପୁର, ବରଗଡ଼, ଝାରସୁଗୁଡା ଏବଂ ଦେବଗଡ଼କୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିଭଳି ୨୨ ତାରିଖରେ ବାଲେଶ୍ବର, ଭଦ୍ରକ ଏବଂ ମୟୁରଭଞ୍ଜକୁ ବଜ୍ରପାତ ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୧୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।