ଆସନ୍ତା ୪ ଦିନ ଜାରି ରହିବ କାଳବୈଶାଖୀ ତାଣ୍ଡବ, ଆଜି ୬ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀର ତାଣ୍ଡବ । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ କଳାହାଣ୍ଡି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସେହିପରି ଘଡ଼ଘଡ଼ି ବିଜୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଆସନ୍ତା ମେ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବା ସହ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆକଳନ କରାଯାଇଛି ।

ମେ ୫ ତାରିଖରୁ ୧୨ ତାରିଖ ମଧ୍ୟରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି । ଉପକୂଳ ସମେତ ପଶ୍ଚିମ ଓଡ଼ିଶାର ଜିଲ୍ଲା ଗୁଡିକରେ ସ୍ବାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଅଧିକ ରହିବ । ଅନ୍ୟପଟେ ମେ ୫ ତାରିଖରେ ଦକ୍ଷିଣ ବଙ୍ଗୋପସାଗରରେ ଏକ ଲଘୁଚାପ ଘନୀଭୁତ ହେବା ସମ୍ଭାବନା ରହିଛି । ଏହା ବାତ୍ୟାର ରୂପ ନେବ କି ନାହିଁ ସ୍ପଷ୍ଟ ହୋଇନି । ମେ ମାସରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ଆଇଏମ୍ଡି ଆକଳନ କରିବା ପରେ ନାନା କଳ୍ପନା ଜଳ୍ପନା ଆରମ୍ଭ ହୋଇଛି ।