ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଦକ୍ଷିଣ ପୂର୍ବ ବାଂଲାଦେଶ ଆଖପାଖରେ ଏହା କେନ୍ଦ୍ରୀଭୂତ ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେବ । ପ୍ରଭାବରେ ଆଜିଠାରୁ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ମୟୁରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ,ଜଗତସିଂହପୁର, ରାୟଗଡା ଏବଂ ଗଜପତି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ନେଇ ୧୧ଟି ଜିଲ୍ଲାକୁ ସତର୍କ କରାଯାଇଛି । କାଲିଠାରୁ ବର୍ଷାର ପରିମାଣ ଏବଂ ବିସ୍ତୃତି ବୃଦ୍ଧିପାଇବ । କାଲି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୩ଟି ଜିଲ୍ଲା କେନ୍ଦୁଝର, ମୟୁରଭଞ୍ଜ ଏବଂ ସୁନ୍ଦରଗଡକୁ ସତର୍କତା ଜାରି ହୋଇଛି । ଏହି ୩ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ପ୍ରବଳ ବର୍ଷା ନେଇ ଝାରସୁଗୁଡା, ସମ୍ବଲପୁର, ଦେବଗଡ, କୋରାପୁଟ, ନବରଙ୍ଗପୁର, ଯାଜପୁର, ବରଗଡ, ରାୟଗଡା, କଳାହାଣ୍ଡି ବାଲେଶ୍ବର ଏବଂ ଭଦ୍ରକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ବହିବ ପବନ । ସମୁଦ୍ର ଅଶାନ୍ତ ରହୁଥିବାରୁ ଆଜିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ଯଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି ।