କଡ଼ାକଡ଼ି ଭାବେ ଲାଗୁ ହେବ ପ୍ଲାଷ୍ଟିକ ନିଷିଦ୍ଧ ନିୟମ

ଭୁବନେଶ୍ବର: ଥରେ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ୍ ନିଷିଦ୍ଧ ଆଇନ କଡ଼ାକଡ଼ି ଭାବେ ସାରା ରାଜ୍ୟରେ  ଲାଗୁ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟସ୍ତରୀୟ ଟାକ୍ସ ଫୋର୍ସ କମିଟି ବୈଠକରେ ଅଧ୍ୟକ୍ଷତା କରି ସେ ଏହି ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ଲୋକସେବା  ଭବନରୁ  ଡ଼ିଜିଟାଲ୍ ମୋଡରେ ଅନୁଷ୍ଠିତ ଏହି ବୈଠକରେ ପରିବେଶ ନିର୍ଦ୍ଦେଶକ ସୁଶାନ୍ତ ନନ୍ଦ ପ୍ଲାଷ୍ଟିକ୍ ବ୍ୟବହାର ନିଷିଦ୍ଧ ନିୟମ ଓ ତାହାର ଅନୁପାଳନ ସମ୍ବନ୍ଧିତ ବିଷୟ  ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ ।

ଏ ଦିଗରେ ବର୍ତ୍ତମାନ ପର୍ଯ୍ୟନ୍ତ ନିଆଯାଇଥିବା ପଦକ୍ଷେପଗୁଡ଼ିକର ସମୀକ୍ଷା କରି ଆଇନ କଡାକଡି ଭାବେ ଲାଗୁ କରିବା ପାଇଁ ମୁଖ୍ୟ ଶାସନ ସଚିବ ଜିଲ୍ଲାପାଳ, ଡିଏଫଓ ଓ ସଂପୃକ୍ତ ବିଭାଗର କ୍ଷେତ୍ରସ୍ତରୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଥରେ ବ୍ୟବହାର ଯୋଗ୍ୟ ନିଷିଦ୍ଧ ପ୍ଲାଷ୍ଟିକ୍ ଉତ୍ପାଦନ ୟୁନିଟ୍ ଓ ବିକ୍ରୀ କରୁଥିବା ଦୋକାନୀମାନଙ୍କ ବିରୋଧରେ କଡା ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ । ନିଜ ନିଜ ଜିଲ୍ଲା ଓ ବନଖଣ୍ଡରେ ହାଟ ବଜାର, ପର୍ଯ୍ୟଟନସ୍ଥଳୀ, ସାଧାରଣ ସମାଗମ ସ୍ଥାନ ଆଦିରେ ପ୍ଲାଷ୍ଟିକ୍ ବ୍ୟବହାର ବାରଣର ଅନୁପାଳନ ବିଷୟରେ ପ୍ରତି ମାସରେ ରିପୋର୍ଟ୍ ଦେବା ପାଇଁ ଜିଲ୍ଲାପାଳ ଓ ବନଖଣ୍ଡ ଅଧିକାରୀମାନଙ୍କୁ କୁହାଯାଇଥିଲା ।

ସ୍ୱତନ୍ତ୍ର ସ୍କ୍ୱାର୍ଡ୍ ମାଧ୍ୟମରେ ବିଭିନ୍ନ ସ୍ଥାନରେ ଚଢ଼ାଉକରି ନିଷିଦ୍ଧ ପ୍ଲାଷ୍ଟିକ୍ ଉତ୍ପାଦନ, ବିପଣୀ ଓ ବ୍ୟବହାରକାରୀ ଦୋକାନୀମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ନିଷ୍ପତ୍ତି ହୋଇଥିଲା । ପ୍ଲାଷ୍ଟିକ୍ ବର୍ଜ୍ୟ ସଂଗ୍ରହ ଓ ପରିଚାଳନା ବିଷୟ ବୈଠକରେ ସବିଶେଷଭାବେ ଆଲୋଚନା ହୋଇଥିଲା । ଏଥିପାଇଁ ଗ୍ରାମ ପଂଚାୟତ ଏବଂ ସହରାଞ୍ଚଳ ମାନଙ୍କ ମଧ୍ୟରେ ସମନ୍ୱୟକୁ ଅଧିକ ଦୃଢ଼ିଭୁତ ଓ ସୁଗମ କରାଯିବ ।