ପୌର ନିର୍ବାଚନ ଲାଗି ବନ୍ଦ ରହିବ ଯୁକ୍ତ ୩ ଛାତ୍ରଛାତ୍ରୀଙ୍କ ପରୀକ୍ଷା

ଭୁବନେଶ୍ୱର: ପୌର ନିର୍ବାଚନ ପାଇଁ ମାର୍ଚ୍ଚ ୨୨ରୁ ୨୪ ମାର୍ଚ୍ଚ ଯାଏଁ ପରୀକ୍ଷା ବନ୍ଦ ରହିବ । +୩ କଲେଜ ଓ ବିଶ୍ୱବିଦ୍ୟାଳୟରେ ହୋଇପାରିବନି ପରୀକ୍ଷା । ପୌର ନିର୍ବାଚନ ପାଇଁ ଏପରି ନିଷ୍ପତ୍ତି । କଲେଜରେ ହେବ ପୋଲିଂ ବୁଥ ଏଣୁ ଛାତ୍ରଛାତ୍ରୀ ଭୋଟ୍ ଦେଇପାରିବେ ନାହିଁ । ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଉଚ୍ଚଶିକ୍ଷା ବିଭାଗର ପକ୍ଷରୁ ଏ ସଂକ୍ରାନ୍ତରେ ବିଜ୍ଞପ୍ତି ପ୍ରକାଶ ପାଇଛି । କିଛି ଯୁକ୍ତ ୩କଲେଜ ଓ ବିଶ୍ୱ ବିଦ୍ୟାଳୟରେ ପଞ୍ଚମ ସେମିଷ୍ଟର ପରୀକ୍ଷାର୍ଥୀଙ୍କ ପରୀକ୍ଷା ଏହି ତାରିଖରେ ଅନୁଷ୍ଠିତ ହେବାର ଥିଲା ।

ରାଜ୍ୟର ତିନି ମହାନଗର ନିଗମ ସହ ୧୦୬ଟି ପୌରାଞ୍ଚଳରେ ମାର୍ଚ୍ଚ ୨୪ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ଘୋଷଣା କରିସାରିଛନ୍ତି । ଏଥିପାଇଁ ଫେବ୍ରୁଆରୀ ୨୮ ତାରିଖରେ ନିର୍ବାଚନ ଅଧିକାରୀ ବିଜ୍ଞପ୍ତି ପ୍ରକାଶ କରିଥିଲେ । ମାର୍ଚ୍ଚ ୨ରୁ ୭ ତାରିଖ ମଧ୍ୟରେ ନାମାଙ୍କନ ପ୍ରକ୍ରିୟା ଅନୁଷ୍ଠିତ ହୋଇସାରିଛି । ଛୁଟିଦିନରେ ବି ନାମାଙ୍କନ ପତ୍ର ଦାଖଲ ହୋଇଥିଲା । ୯ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ, ୧୪ ତାରିଖ ମଧ୍ୟରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ନେଇ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।

୨୬ ତାରିଖର ମତଗଣନା ସହ ଫଳାଫଳ ଘୋଷଣା ହେବ । ଡେପୁଟି ମେୟର ନିର୍ବାଚନ ଏପ୍ରିଲ୍ ୪ରେ, ଉପାଧ୍ୟକ୍ଷ ନିର୍ବାଚନ ଏପ୍ରିଲ୍ ୭ରେ କରାଯିବ । ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀ ୨ଟି ସତ୍ୟପାଠ ଦାଖଲ କରିବେ । ପ୍ରଥମ ସତ୍ୟପାଠରେ ପ୍ରାର୍ଥୀ ସମ୍ପତ୍ତି ତାଲିକା, ଶିକ୍ଷାଗତ ଯୋଗ୍ୟତା, ଅପରାଧିକ ମାମଲା ତଥ୍ୟ ଦେବେ । ଦ୍ୱିତୀୟ ସତ୍ୟପାଠରେ ଗୋଟିଏ ସ୍ତ୍ରୀ ଓ ୨ଟିରୁ ଅଧିକ ଛୁଆ ନଥିବା ସୂଚନା ଦେବେ ।

ପ୍ରଥମ ଥର ପାଇଁ ପୌରସଂସ୍ଥା ନିର୍ବାଚନରେ ନୋଟା ବିକଳ୍ପ ରହିବ । ବାଲାଟ୍ ପେପରର ସବାଶେଷରେ ନୋଟା ବଟନ୍ ରହିବ । ନିର୍ବାଚନ ମଇଦାନରେ ଭୋଟରଙ୍କ ମନ ପସନ୍ଦର ପ୍ରାର୍ଥୀ ନଥିଲେ ଭୋଟରମାନେ ନୋଟା ବ୍ୟବହାର କରିପାରିବେ । ପୌର ନିର୍ବାଚନ ପାଇଁ ପ୍ରତ୍ୟେକ ବୁଥରେ ଦୁଇଟି ଲେଖାଏ ଇଭିଏମ୍ ରହିବ ।