୨୫ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନକୁ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ଆସନ୍ତା ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାମହିମଙ୍କ ଓଡ଼ିଶା ଗସ୍ତ ଓ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନକୁ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକରେ ଆଲୋଚନା କରାଯାଇଛି । ଜୁଲାଇ ୨୫ରେ ରାଜଭବନରେ ଓଡିଶାର ଆପଦଗ୍ରସ୍ତ ଜନଜାତି ଗୋଷ୍ଠୀ ପ୍ରତିନିଧିଙ୍କ ସହିତ ସାକ୍ଷାତ ଆଲୋଚନା କରିବେ ମହାମହିମ ।

୨୬ ତାରିଖରେ କଟକର ଚଣ୍ଡୀ ମନ୍ଦିର, ଉତ୍କଳଗୌରବ ମଧୁସୁଦନ ଦାସଙ୍କ ବାସ ଭବନ ଏବଂ ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ । ସେହିଦିନ କଟକ ଉଚ୍ଚ ନ୍ୟାୟାଳୟର ୭୫ ତମ ପ୍ରତିଷ୍ଠା ଦିବସର ପୂର୍ତ୍ତି ଉତ୍ସବ, ଜାତୀୟ ଆଇନ୍ ବିଶ୍ବବିଦ୍ୟାଳୟ କଟକର ସମାବର୍ତ୍ତନ ଉତ୍ସବ, ଏସସିବିର ବାର୍ଷିକୋତ୍ସବରେ ଯୋଗଦାନ କରିବେ । ୨୭ତାରିଖରେ ଭୁବନେଶ୍ବର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ ହାଉସ୍ କମ୍ପ୍ଲେକ୍ସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ।

ପରେ ଭଦ୍ରକ ସ୍ବୟଂ ଶାସିତ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଯୋଗଦାନ କରିବା କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ରାଷ୍ଟ୍ରପତିଙ୍କର ରହଣି, ସୁରକ୍ଷା ବ୍ୟବସ୍ଥା, କାର୍ଯ୍ୟକ୍ରମର ଗଣମାଧ୍ୟମରେ ପ୍ରକାଶନ ଓ ପ୍ରସାରଣ, ସ୍ବାସ୍ଥ୍ୟସେବା ଓ ଚିକିତ୍ସା, ଆମ୍ବୁଲାନ୍ସ, ଉତ୍ସବ ସ୍ଥଳକୁ ଯାତାୟତ ରାସ୍ତାର ରକ୍ଷଣାବେକ୍ଷଣ ତଦାରଖ ଆଦି ବିଭିନ୍ନ ପ୍ରସଙ୍ଗରେ ବୈଠକରେ ଆଲୋଚନା ହୋଇଛି ।

ସମସ୍ତ କାର୍ଯ୍ୟକ୍ରମରେ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହକୁ ସୁନିଶ୍ଚିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏହାଛଡ଼ା ଇଣ୍ଟରେନେଟ, ଅଗ୍ନିନିର୍ବାପକ ଆଦି ବ୍ୟବସ୍ଥା ସମ୍ପର୍କରେ ଆଲୋଚନା ହୋଇଛି । ବୈଠକରେ ଶକ୍ତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ପୁଲିସ୍ ମହାନିର୍ଦ୍ଦେଶକ ସୁନୀଲ ବଂଶଲ, ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ବତ ମିଶ୍ର, ପୋଲିସ କମିଶନର ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ, ସ୍ବାସ୍ଥ୍ୟ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତଙ୍କ ସମେତ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।