ପୁରୀ ଓ ନୟାଗଡ ଜିଲ୍ଲାର ଅଭିଯୋଗ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସମୀକ୍ଷା

1 min read

ଭୁବନେଶ୍ୱର: ପୁରୀ ଓ ନୟାଗଡ ଜିଲ୍ଲାର ଅଭିଯୋଗ ସଂପର୍କରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ସମୀକ୍ଷା। ଉପଯୁକ୍ତ ସର୍ତ୍ତାବଳୀ ଅନୁଯାୟୀ ଦିଆଯାଇଥିବା ପୁରୀ ପୌରପାଳିକା ଲିଜ୍ ଜମି ଗୁଡିକ ହେବ ନିୟମିତ। ବର୍ଷ ବର୍ଷର ସମସ୍ୟାର ହେବ ସମାଧାନ।

ପୁରୀ ପୌରପାଳିକା ଜମି ସମସ୍ୟା ସଂପର୍କରେ 5T ସଚିବଙ୍କ ଗସ୍ତ ସମୟରେ ଲୋକେ ଦୃଷ୍ଟି ଆକର୍ଷଣ କରିଥିଲେ। ପୁରୀ ପୌରପାଳିକା ଦ୍ଵାରା ପୌରପାଳିକା ନିୟମ ଓ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଅନୁଯାୟୀ ଦିଆଯାଇଥିବା ଲିଜଗୁଡିକୁ ନିୟମିତ କରିବା ପାଇଁ ବୈଠକରେ ନୀତିଗତ ନିଷ୍ପତ୍ତି ନିଆଯାଇଛି। ଏହି କାର୍ଯ୍ୟକୁ ଧାର୍ଯ୍ୟ ଅବଧି ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ଆବଶ୍ୟକ ସର୍ଭେ କାମକୁ ୨୦ଦିନ ମଧ୍ୟରେ ଶେଷ କରିବା ପାଇଁ 5T ସଚିବ ନିର୍ଦ୍ଦେଶ ଦେଇଥିଲେ।

ଜିଲ୍ଲାପାଳଙ୍କୁ ଆବଶ୍ୟକ ଅତିରିକ୍ତ ରାଜସ୍ବ ଅଧିକାରୀ ଯୋଗାଇ ଦେବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ପୁରୀ ପୌରପାଳିକା ବହୁ ବର୍ଷ ଧରି ବିଭିନ୍ନ ଅନୁଷ୍ଠାନ ଓ ଲୋକମାନଙ୍କୁ ଲିଜ ସୂତ୍ରରେ ପ୍ରାୟ ୫୦୪ ଏକର ଜମି ଦେଇଛି। ଏହି ଉଚ୍ଚସ୍ତରୀୟ ବୈଠକରେ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଓ ପୌରପାଳିକା ନିୟମ ଅନୁସାରେ ଆବଣ୍ଟିତ ଲିଜ୍ ନିୟମିତ କରିବା ପାଇଁ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନମାନଙ୍କ ଉପରେ ଉପଯୁକ୍ତ ଦେୟ ଧାର୍ଯ୍ୟ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି।

ସେହିପରି ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ କାମ ପାଇଁ ଟେଣ୍ଡର ସେପ୍ଟେମ୍ବର ଶେଷ ସୁଦ୍ଧା ସରିବ। ନୟାଗଡ ଜିଲ୍ଲା ମଂଜରୀ ଗାଁ ନିକଟରେ ବୃତ୍ତଙ୍ଗ ନଦୀ ଉପରେ ଜଳଭଣ୍ଡାର ପ୍ରକଳ୍ପ ନିର୍ମାଣ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଛି। ପରିବେଶ ତଥା ଅନ୍ୟାନ୍ୟ ଆବଶ୍ୟକ ମଂଜୁରୀ ମିଳିବା ପରେ ପ୍ରକଳ୍ପ ପାଇଁ ତୁରନ୍ତ ଟେଣ୍ଡର ଆହ୍ବାନ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି।