ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଚିବ ସ୍ତରୀୟ ବୈଠକ

1 min read

ଭୁବନେଶ୍ବର: ଆଜି ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି ସଚିବ ସ୍ତରୀୟ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଭାଗୀୟ ସଚିବଙ୍କୁ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରି ଯୋଜନା ଖର୍ଚ୍ଚ ବୃଦ୍ଧି କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଏହାସହ ବିଭିନ୍ନ କ୍ଷେତ୍ରରେ ଅଧିକ ପୁଞ୍ଜି ବିନିଯୋଗ କରି ଅଭିବୃଦ୍ଧି ତ୍ୱରାନ୍ୱିତ କରିବାକୁ ସେ ପରାମର୍ଶ ଦେଇଛନ୍ତି । ଅଭିବୃଦ୍ଧି ତ୍ୱରାନ୍ୱିତ ହେଲେ ନିଯୁକ୍ତି ସୁଯୋଗ ମଧ୍ୟ ବୃଦ୍ଧି ପାଇବ । ବିଭିନ୍ନ ବିଭାଗ, ବିଶେଷ କରି ଭିତ୍ତିଭୂମି ନିର୍ମାଣ ଦାୟିତ୍ୱରେ ଥିବା ବିଭାଗଗୁଡିକ ଆବଶ୍ୟକ ସ୍ଥଳେ ଅଧିକ ଟେକନିକାଲ ମେନପାଓ୍ବାର ନିଯୁକ୍ତ କରି କାର୍ଯ୍ୟକ୍ରମଗୁଡିକୁ ଆଗେଇ ନେବା ଉଚିତ୍ ବୋଲି ସେ କହିଛନ୍ତି ।

ରାଜ୍ୟ ସରକାର ୨୦୩୬ ଓ ୨୦୪୭ ପାଇଁ ବଡ ଭିଜନ୍ ରଖି କାମ ଆରମ୍ଭ କରିଛନ୍ତି, ତେଣୁ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଏହାକୁ ଦୃଷ୍ଟିରେ ରଖି ସମ୍ମିଳିତ ଭାବେ, ଟିମ୍ ସ୍ପିରିଟ୍ ନେଇ କାମ କରିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ବୈଠକରେ ଏପ୍ରିଲ-ଜୁଲାଇ ଅବଧିର ୨୦୨୩-୨୪ ଓ ୨୦୨୪-୨୫ ପାଇଁ ଏକ ତୁଳନାତ୍ମକ ଆୟ ବ୍ୟୟର ହିସାବ ଉପସ୍ଥାପନ କରିଥିଲେ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର । ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଏବଂ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବମାନେ ଉପସ୍ଥିତ ଥିଲେ ।