ଭୁବନେଶ୍ୱର: ପୁଣି ଏକ ଲଘୁଚାପ ଆସୁଛି। ଏହାର ପ୍ରଭାବରେ ୧୦ରୁ ୧୪ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ କୁମାର ଜେନା। ସେଥିପାଇଁ ରାଜ୍ୟର ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ୍ କମିଶନରଙ୍କୁ ଏସ୍ଆର୍ସି ଚିଠି ଲେଖିଛନ୍ତି । ଏସ୍ଆର୍ସିଙ୍କ କହିବା ଅନୁସାରେ ୧୦ରୁ ୧୪ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ IMD ପୂର୍ବାନୁମାନ କରିଛି। ସାରା ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବର୍ଷା ଯୋଗୁ କେତେକ ଜାଗାରେ ଭୂସ୍ଖଳନ ହେବାର ଆଶଙ୍କା ରହିଛି । ତେଣୁ ସେହି ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତରଣ କରିବାକୁ କୁହାଯାଇଛି। ଲୋକଙ୍କୁ ସ୍ଥାନାନ୍ତରଣ ପାଇଁ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆରସି । ପାଣି ଜମିବା ସହ ବିଭିନ୍ନ ନଦୀରେ ବନ୍ୟା ସମ୍ଭାବନା ରହିଛି। ତେଣୁ ବିପଜ୍ଜନକ ନଦୀ ବନ୍ଧ ପ୍ରତି ନଜର ରଖିବାକୁ ବିଭାଗୀୟ ଯନ୍ତ୍ରୀଙ୍କୁ ଏସ୍ଆର୍ସି ତାଗିଦ କରିଛନ୍ତି। ଡଙ୍ଗା ଓ ଯନ୍ତ୍ରାଂଶ ସହ ଅଗ୍ନିଶମ ବାହିନୀକୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସହରାଞ୍ଚଳ ଓ ତଳି ଅଞ୍ଚଳରେ ବର୍ଷା ପାଣି ଜମିବା ସମ୍ଭାବନା ରହିଛି। ତେଣୁ ଏହାର ମୁକାବିଲା କରିବା ପାଇଁ ସତର୍କ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆର୍ସି। ବନ୍ୟା କଥା ବୁଝୁଥିବା ସବୁ ଅଫିସ୍ ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ କରିବେ। ଏହି ସମୟ ଭିତରେ ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ସେହିପରି ଗୁରୁବାର ସକାଳ ସାଢ଼େ ୮ଟାରୁ ଶୁକ୍ରବାର ସାଢ଼େ ୮ଟା ଭିତରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୋଳ, ଢ଼େଙ୍କାନାଳ ଓ ସମ୍ୱଲପୁର ଜିଲ୍ଲା କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟଧିକ ବର୍ଷା ହେବ।
ଏଥିସହିତ ପଢ଼ନ୍ତୁ: କରୋନା ସଂକ୍ରମିତ ଶିଶୁଙ୍କ ଠାରେ କେଉଁ ଲକ୍ଷଣ ଦେଖାଯାଏ: ଜାଣନ୍ତୁ କେମିତି ନେବେ ଯତ୍ନ

