ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ

ପୁରୀ : ଆଜି ଭାଦ୍ରବ କୃଷ୍ଣ ପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହେବ । ଗତକାଲି ମହାପ୍ରଭୁଙ୍କ ବଣଭୋଜି ବେଶ, କୋଳିବିକା, ବକାସୁର ଓ ଅର୍ଘାଶୁର ବଧ ନିତି ଅନୁଷ୍ଠିତ ହୋଇଥିଲା  । ମହାପ୍ରଭୁ ବାଳଗୋପାଳ ଓ ବଡ଼ଠାକୁର ବଳରାମ  ବେଶ ହୋଇଥିଲେ । ଆଜି  ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରାଇବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ ବିଜେ କରାଇବେ । ପରେ ଶ୍ରୀଜିଉମାନେ ଶ୍ରୀମନ୍ଦିର ବେଢା ପରିକ୍ରମା କରି ଲୋକନାଥ ରୋଡ଼ ସ୍ଥିତ ଲବଣୀଖିଆ ମଣ୍ଡପକୁ ବିଜେ କରିବେ । ସେଠାରେ  ବନ୍ଦାପନା, ଶୀତଳ ଭୋଗ ଇତ୍ୟାଦି ନୀତି ସମାପନ ପରେ ମାର୍କଣ୍ଡ ପୁଷ୍କରିଣୀରେ ମହାପ୍ରଭୁଙ୍କ କାଳୀୟଦଳନ ଲୀଳା ସମାପନ ହେବ । ପରେ ଶୀତଳ ଭୋଗ ଓ ବନ୍ଦାପନା ହୋଇ ମହାପ୍ରଭୁ ବାହୁଡା ବିଜେ କରିବା ପରେ ଜୟବିଜୟ ଦ୍ୱାରରେ ଏକାଦଶୀ ଭୋଗ ଓ ବନ୍ଦାପନା ନୀତି ବଢି ମହାପ୍ରଭୁ ଦକ୍ଷିଣୀ ଘରକୁ ବିଜେ କରାଯିବ । ସେହିପରି ଅନ୍ୟାନ୍ୟ ନୀତି ବଢିବା ପରେ ରତ୍ନ ସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସଜ୍ଜିତ କରାଯିବ |