ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ପୁରୀ: ଆଜି ଶ୍ରୀଜିଉଙ୍କ ପବିତ୍ର ରଥଯାତ୍ରା । ଲୋକାରଣ୍ୟ ହେବାରେ ଲାଗିଛି ବଡ଼ଦାଣ୍ଡ । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ରଥଯାତ୍ରା ପାଇଁ ସୁସଜ୍ଜିତ ହୋଇଛି ଶ୍ରୀମନ୍ଦିର । ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ । ରତ୍ନ ସିଂହସନ ଛାଡ଼ି ରଥକୁ ଆସିବେ ତିନି ଠାକୁର । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପବିତ୍ର ରଥଯାତ୍ରା ଅବସରରେ ସମସ୍ତକୁ ମୋର ହାର୍ଦ୍ଦିକ ଶୁଭକାମନା ଜଣାଉଛି । ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ବିକାଶର ନନ୍ଦିଘୋଷ ନୂଆ ଓଡ଼ିଶାର ପଥକୁ ସୁଗମ କରୁ ବୋଲି ଟ୍ୱିଟ୍ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସୂଚନା ଅନୁସାରେ ଆଜି ସକାଳ ସାଢ଼େ ୯ଟାରେ ଶ୍ରୀଜିଉଙ୍କର ପହଣ୍ଡି ଆରମ୍ଭ ହେବ । ପ୍ରଭୁ ସୁଦର୍ଶନ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଧାଡ଼ି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ । ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍ଣ ୪ଟାରେ ଗଡ଼ିବା ଆରମ୍ଭ କରିବ ।