ଉପାନ୍ତରୁ ଉପକୂଳ ସବୁଠି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର
1 min readଭୁବନେଶ୍ୱର : ଘନୀଭୁତ ହେଉଛି ଲଘୁଚାପ । କାଲିଠୁ ପ୍ରବଳ ବର୍ଷା । ଉପାନ୍ତରୁ ଉପକୂଳ ସବୁଠି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର-ପୂର୍ବ ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେବ । ପରେ ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ମୁହାଁ ହେବ । ପ୍ରଭାବରେ କାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ହେବ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଏବଂ ଯାଜପୁରରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଥିବାରୁ ସତର୍କତା ଜାରି କରାଯାଇଛି । ବର୍ଷା ସମୟରେ ଦୃଶ୍ୟମାନ କ୍ଷମତା କମିବା ସହ ଟ୍ରାଫିକ ସମସ୍ୟା ଉପୁଜିପାରେ । ବର୍ଷାରେ କଚ୍ଚା ଘର, କଚ୍ଚା ରାସ୍ତା ପ୍ରଭାବିତ ହେବା ସହ କିଛି ସ୍ଥାନରେ ଆକସ୍ମିକ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ । ସେହିଭଳି ପ୍ରବଳ ବର୍ଷା ନେଇ ୯ଟି ଜିଲ୍ଲା କଟକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୁନ୍ଦରଗଡ ଏବଂ ଦେବଗଡକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରାଯାଇଛି । ୧ ତାରିଖରେ ବର୍ଷାର ପରିମାଣ ଆହୁରି ବଢିବ । ଏଥିପାଇଁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୦ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ଦକ୍ଷିଣ ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୨ ତାରିଖରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପଶ୍ଚିମ ଓଡ଼ିଶାର ୭ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି ।