ପୁଣି ପ୍ରବଳ ବର୍ଷାରେ ଭିଜିବ ଓଡ଼ିଶା, ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଲଘୁଚାପ

1 min read

ଭୁବନେଶ୍ୱର: ପୁଣି ପ୍ରବଳ ବର୍ଷାରେ ଭିଜିବ ଓଡ଼ିଶା। ଦକ୍ଷିଣ-ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲାକୁ ବୁଡାଇବ ଲଘୁଚାପ। ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ଆସନ୍ତା ୧୦ରୁ ୧୫ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୧୦ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଅଧିକ ଘନିଭୂତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବ। ଲଘୁଚାପ ପାଇଁ ଯଦି ପାଗ ଅନୁକୂଳ ରହିବ ତେବେ ଏହା ଅଧିକ ଘନିଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇପାରେ।

ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସହିତ ଦକ୍ଷିଣ-ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଫଳରେ ଚଳିତବର୍ଷ ଲଘୁଚାପରେ ଭିଜିବ ଦଶହରା। ସେପଟେ ଆଜି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେପଟେ ଦକ୍ଷିଣ-ପଶ୍ଚିମ ମୌସୁମୀର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇ ସାରିଛି। ଓଡ଼ିଶାରୁ ଅକ୍ଟୋବର ୨୦ଭିତରେ ଯେକୌଣସି ମୁହୁର୍ତ୍ତରେ ମୌସୁମୀର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇପାରେ।

Leave a Reply