spot_img

Latest Posts

ଆହୁରି ଦୁଇ ଦିନ ବର୍ଷିବ, ୨୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ବର : ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା। କେଉଁଠି ତୁହାକୁ ତୁହା ବର୍ଷା ତ କେଉଁଠି ଘଡଘଡି ବିଜୁଳି ସହ ବର୍ଷା ଜାରି ରହିଛି। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଏଭଳି ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୂଳ ରେ ସକ୍ରିୟ ରହିଛି। ପ୍ରଭାବରେ ଆଜି ପ୍ରବଳ ବର୍ଷା ନେଇ ୨୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, ସମ୍ବଲପୁର, ବରଗଡ଼, ନୂଆପଡା, ବଲାଙ୍ଗୀର, ବୌଦ୍ଧ, ସୋନପୁର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଯାଜପୁର, କଟକ ଏବଂ ଖୋର୍ଦ୍ଧା ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ଆସନ୍ତା କାଲି ପ୍ରବଳ ବର୍ଷା ନେଇ ୫ଟି ଜିଲ୍ଲାକୁ ସତର୍କତା ଜାରି ହୋଇଛି। ବିଶେଷ କରି ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବା ର ସମ୍ଭାବନା ରହିଛି। ୨୭ ତାରିଖରୁ ବର୍ଷା ର ପରିମାଣ କମିଲେ ମଧ୍ୟ ବଜ୍ରପାତ ଜନିତ ବର୍ଷା ଜରି ରହିବ । ବିଶେଷ କରି ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ଘଡଘଡି ବିଜୁଳି ସହ ବର୍ଷା ହେବ । ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ସେହିଭଳି ଜୁନ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ସ୍ବାଭାବିକ ଠାରୁ ୭ ପ୍ରତିଶତ ନିଅଁଣ୍ଟିଆ ବର୍ଷା ରେକର୍ଡ କରାଯାଇଛି। ୨୧ ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ କେବଳ ମାଲକାନଗିରି ଜିଲ୍ଲାରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ହୋଇଛି। ୮ ଟି ଜିଲ୍ଲାରେ ଏବେ ବି ୧୯ ରୁ ୫୯ ପ୍ରତିଶତ ପର୍ଯ୍ୟନ୍ତ ନିଅଁଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ସେପଟେ ଦେଶର କିଛି ରାଜ୍ୟରୁ ଫେରୁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ।

Latest Posts

Don't Miss