ପାଟଣାଗଡ଼ ଓ କୁଚିଣ୍ଡାରେ ଖୋଲାଯିବ ନୂଆ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ

1 min read

ଭୁବନେଶ୍ୱର: ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ଼ଠାରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI) ଖୋଲାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ୱାରା ଏହି ଜନଜାତି ବହୁଳ ଅଞ୍ଚଳର ଯୁବ ସମାଜ ବିଶେଷ ଭାବରେ ଉପକୃତ ହେବେ । କୁଚିଣ୍ଡାରେ ନୂଆ ସରକାରୀ ITI ପ୍ରତିଷ୍ଠା ଦ୍ୱାରା କୁଚିଣ୍ଡା ବାମରା ଓ ଜମନକିରା ବ୍ଲକର ଯୁବସମାଜ ଉପକାର ପାଇବେ । ନିଯୁକ୍ତି ତଥା ଆତ୍ମନିଯୁକ୍ତିର ସୁଯୋଗ ଥିବା ଚାରିଗୋଟି TRADEରେ ଏଠାରେ ୨୪୦ ପ୍ରଶିକ୍ଷାର୍ଥୀଙ୍କୁ ତାଲିମ ଦିଆଯିବ । ସମ୍ବଲପୁର ଆଖପାଖରେ ଅନେକ ଶିଳ୍ପାନୁଷ୍ଠାନ ଗଢି ଉଠୁଥିବାରୁ ଏହା ଛାତ୍ରଛାତ୍ରୀମାନଙ୍କ ପାଇଁ ବିପୁଳ ଓ ଆତ୍ମନିଯୁକ୍ତି ପାଇଁ ସୁଯୋଗ ମଧ୍ୟ ସୃଷ୍ଟି କରିବ ।

ସେହିପରି ବଲାଙ୍ଗୀରର ପାଟଣାଗଡ଼ଠାରେ ପ୍ରତିଷ୍ଠିତ ITIରେ ମଧ୍ୟ ୪ ଗୋଟି tradeରେ ୨୪୦ ଜଣ ପିଲା ଶିଳ୍ପ ତାଲିମ ପାଇପାରିବେ । ବୃତ୍ତିଗତ ତାଲିମ ବ୍ୟବସ୍ଥା ଦ୍ୱାରା ବ୍ଲକର ଯୁବକ ଯୁବତୀମାନଙ୍କୁ ଦକ୍ଷତା ବୃଦ୍ଧି ହେବା ସହିତ ନିଯୁକ୍ତି/ଆତ୍ମନିଯୁକ୍ତିର ସୁଯୋଗ ସୃଷ୍ଟିରେ ସହାୟକ ହେବ।

ସୂଚନାଯୋଗ୍ୟ ଯେ ରାଜ୍ୟର ୩୧୪ଟି ବ୍ଲକ୍‌ ମଧ୍ୟରୁ ୨୫୧ଟି ବ୍ଲକର ସରକାରୀ/ବେସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI) ରହିଛି । ସେହିପରି ୫୮ଟି ସବଡିଭିଜନ ମଧ୍ୟରୁ ୪୮ଟିରେ ITI ରହିଛି । ପାଟଣାଗଡ ଓ କୁଚିଣ୍ଡାରେ ITI  ପ୍ରତିଷ୍ଠା ହେବା ପରେ ଏହି ସଂଖ୍ୟା ୫୦କୁ ବୃଦ୍ଧି ପାଇବ । Skilled in Odisha କାର୍ଯ୍ୟକ୍ରମ ଜରିଆରେ ଆମର ଯୁବକ ଯୁବତୀମାନେ ବିଭିନ୍ନ ସରକାରୀ ଶିଳ୍ପତାଲିମ ପ୍ରତିଷ୍ଠାନ ମାନଙ୍କରେ ତାଲିମ ନେଇ ନିଜର ଦକ୍ଷତା ଦ୍ୱାରା ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିପାରିଛନ୍ତି। ଭୁବନେଶ୍ବର ନିକଟରେ ପ୍ରତିଷ୍ଠିତ World Skill Centre ଆମର ଯୁବସମାଜ ପାଇଁ ଅନେକ ସମ୍ଭାବନା ସୃଷ୍ଟି କରିଛି।