କୋଣାର୍କ ଅଞ୍ଚଳର ଭିତ୍ତିଭୂମିକୁ ଆନ୍ତର୍ଜାତୀୟ ମାନର କରାଯିବ: ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ୱର: ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ଏ ଦିଗରେ କାମ ଚାଲିଛି । ଏହି କାର୍ଯ୍ୟ କ୍ରମର ଅଂଶ ଭାବରେ କୋଣାର୍କ ଐତିହ୍ୟ ଅଞ୍ଚଳ ବିକାଶର ଚିଠା ଯୋଜନା ପ୍ରସ୍ତୁତ ହୋଇଛି । କୋଣାର୍କକୁ ପ୍ରତିଦିନ ବିଶ୍ୱର ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକ ଆସିଥାନ୍ତି । ତେଣୁ କୋଣାର୍କ ଅଞ୍ଚଳରେ ଭିତ୍ତିଭୂମି ବିକାଶକୁ ଆନ୍ତର୍ଜାତୀୟ ମାନର କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆଜି ଏହାର ବିଭିନ୍ନ ଦିଗ ଉପରେ ରାଜ୍ୟ ପୂର୍ତ୍ତ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅବଗତି ନିମନ୍ତେ ଏକ ଉପସ୍ଥାପନା କରାଯାଇଥିଲା । ଜନସାଧାରଣ ଏହି ଚିଠା ଯୋଜନା ଉପରେ ସେମାନଙ୍କ ସୁଚିନ୍ତିତ ମତାମତ ୨୧ ଦିନ ଭିତରେ ଦେଇପାରିବେ ।

World Class Facilities To Be Built In Konarak Area

କଳିଙ୍ଗ ସ୍ଥାପତ୍ୟ କଳାର ଅପୂର୍ବ ନିଦର୍ଶନ ହେଉଛି କୋଣାର୍କ ମନ୍ଦିର । ଗଙ୍ଗ ବଂଶର ରାଜା ଲାଙ୍ଗୁଳା ନରସିଂହ ଦେବଙ୍କର ତ୍ରୟୋଦଶ ଶତାଦ୍ଦୀର ଏହି ଅନୁପମ କୀର୍ତ୍ତି ତାର ଅବିଶ୍ୱସନୀୟ କଳା ଓ ଭାସ୍କର୍ଯ୍ୟ ପାଇଁ ସାରା ବିଶ୍ୱର ପର୍ଯ୍ୟଟକ ମାନଙ୍କୁ ଆକର୍ଷିତ କରିଆସିଛି । ଭଗବାନ ସୂର୍ଯ୍ୟଙ୍କ ଉଦ୍ଦେଶ୍ୟରେ ସମର୍ପିତ ଏହି ମନ୍ଦିରର ମୁଖ୍ୟ ଅଂଶ ଭାଙ୍ଗି ଯାଇଥିଲେ ମଧ୍ୟ ମୁଖଶାଳାର ଶୋଭା ଓଡ଼ିଶାର କାରିଗର ଓ ଶିଳ୍ପୀ ମାନଙ୍କର ଦକ୍ଷତାର ଜୟଗାନ କରି ଆସୁଛି ।

ଏହି ମନ୍ଦିର ତତ୍କାଳୀନ ଓଡ଼ିଶାର ସମ୍ପନ୍ନତା ବିଷୟରେ ସୂଚିତ କରିଥାଏ । ମନ୍ଦିର ଗାତ୍ରରେ ଜିରାଫର ଚିତ୍ର ଆଫ୍ରିକୀୟ ଦେଶ ମାନଙ୍କ ସହିତ ତତ୍କାଳୀନ ଓଡ଼ିଶାର ସମ୍ପର୍କ ବିଷୟରେ ମଧ୍ୟ ଉଲ୍ଲେଖ କରିଥାଏ । ୧୯୮୪ ମସିହାରେ ୟୁନେସ୍କୋ (UNESCO) କୋଣାର୍କକୁ ବିଶ୍ୱ ଐତିହ୍ୟର ମାନ୍ୟତା ପ୍ରଦାନ କରିଛି । ଏହି ମହାନ ସାଂସ୍କୃତିକ ବୈଭବର ସୁରକ୍ଷା ଆମ ସମସ୍ତଙ୍କର ନୈତିକ ଦାୟିତ୍ୱ । ମନ୍ଦିରର ସୁରକ୍ଷା ସହିତ ଏହାର ସଂରକ୍ଷଣ ତଥା ଅଧିକରୁ ଅଧିକ ପର୍ଯ୍ୟଟକ ମାନଙ୍କୁ  ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର 5T କାର୍ଯ୍ୟକ୍ରମ ଅଧୀନରେ ଏହି ଐତିହ୍ୟ ପ୍ରକଳ୍ପ ଆରମ୍ଭ କରିବାକୁ ଯାଉଛନ୍ତି ।

World Class Facilities To Be Built In Konarak Area

ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ହେଲା- କୋଣାର୍କ ସୂର୍ଯ୍ୟ ମନ୍ଦିରର ଗାରିମାର ସୁରକ୍ଷା, ପର୍ଯ୍ୟଟକ ମାନଙ୍କ ପାଇଁ ଅନନ୍ୟ ଅନୁଭୂତି, ସ୍ଥାନୀୟ ବ୍ୟବସାୟୀ ମାନଙ୍କ ଆର୍ଥିକ ଉନ୍ନତି ତଥା କୋଣାର୍କ ସହିତ ପୁରୀ ଜିଲ୍ଲା ଓ ସମଗ୍ର ରାଜ୍ୟର ପର୍ଯ୍ୟଟନ ଅର୍ଥନୀତିର ବିକାଶ । କୋଣାର୍କ ମନ୍ଦିରର ପାରିପାର୍ଶ୍ୱିକ ଅଞ୍ଚଳର ଭିତ୍ତିଭୂମି ବିକାଶକୁ ଏହି ପ୍ରାଚୀନ ଐତିହ୍ୟ ସହ ସମନ୍ୱିତ କରିବା ଉପରେ ଏଥିରେ ଗୁରୁତ୍ୱ ଦିଆଯାଇଛି ।

ସାଢ଼େ ତିନି କିଲୋମିଟର ବାହ୍ୟ ରିଂ ରୋଡକୁ ୬ ଥାକିଆ ନିର୍ମାଣ କରାଯିବା ସହିତ ମନ୍ଦିରକୁ ଯାଇଥିବା ସବୁ ରାସ୍ତାର ବିକାଶ କରାଯିବ । ଯାତ୍ରୀଙ୍କୁ ନେବା ଆଣିବା ପାଇଁ ଭୁବନେଶ୍ୱରରୁ କୋଣାର୍କ ପର୍ଯ୍ୟନ୍ତ ପଏଣ୍ଟର ବିକାଶ କରାଯିବ । ଫେରିବାଲା ମାନଙ୍କୁ ପୁନଃ ଥଇଥାନ କରାଯିବ । ମନ୍ଦିର ସମ୍ମୁଖରେ ଥିବା ତିରିଶ ଏକର ଜମି ସମ୍ପୂର୍ଣ୍ଣ ଖୋଲା ରହିବ ଏବଂ ଲ୍ୟାଣ୍ଡସ୍କେପିଂ କରାଯିବ ।

World Class Facilities To Be Built In Konarak Area

ପ୍ରବେଶସ୍ଥଳରେ ପର୍ଯ୍ୟଟକ ମାନଙ୍କୁ ସ୍ୱାଗତ କରିବା ପାଇଁ ସୁଦୃଶ୍ୟ କୋଣାର୍କ ଏଣ୍ଟ୍ରି ପ୍ଲାଜା ନିର୍ମାଣ କରାଯିବ । ତା’ ସହିତ ଗାଡ଼ି ମୋଟର ପାର୍କିଂ ପାଇଁ ମଲ୍ଟି ମୋଡାଲ୍ ହବ୍ ନିର୍ମାଣ କରାଯିବ । କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚର ପୁନଃବିନ୍ୟାସ କରାଯିବ । ଐତିହ୍ୟ ଅଞ୍ଚଳର ସୌନ୍ଦର୍ଯ୍ୟକରଣ ସହିତ ପଥଚାରୀ ମାନଙ୍କ ପାଇଁ ସ୍ୱତନ୍ତ୍ର ରାସ୍ତା ମଧ୍ୟ ନିର୍ମାଣ କରାଯିବ । କୋଣାର୍କ ଯୋଜନାରେ ସ୍ଥାନୀୟ ଲୋକଙ୍କ ଆଶା ଆକାଂକ୍ଷାର ପ୍ରତିଫଳନ ସହିତ ଐତିହ୍ୟ ସଂରକ୍ଷଣ ଓ ବିକାଶରେ ବିଶ୍ୱସ୍ତରୀୟ ଦୃଷ୍ଟିଭଙ୍ଗୀର ପ୍ରତିଫଳନ ହୋଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ଏବଂ ପୂର୍ତ୍ତ ସଚିବ ଉପସ୍ଥାପନା ଦେଇଥିଲେ । ମନ୍ତ୍ରୀ ତୁଷାର କାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave a Reply