ରାଜ୍ୟରେ ଖରାବର୍ଷାର ଲୁଚକାଳି ଖେଳ, ଦିନରେ ତାତି ସହିତ ଅପରାହ୍ନରେ କାଳବୈଶାଖୀ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଖରାବର୍ଷାର ଲୁଚକାଳି ଖେଳ । ଦିନରେ ତାତି ସହିତ ଅପରାହ୍ନରେ ତାଣ୍ଡବ ରଚୁଛି କାଳବୈଶାଖୀ । ପଶ୍ଚିମରେ ପ୍ରବଳ ଖରା ହେଉଥିବାବେଳେ ଉପକୂଳକୁ ଅସ୍ତବ୍ୟସ୍ତ କରୁଛି ଗୁଳୁଗୁଳି । ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିବ । ଆଜି ଉପକୂଳ ଓ ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାକୁ କାଳବୈଶାଖୀ ପାଇଁ ଜାରି ହୋଇଛି ୟେଲୋ ଆଲର୍ଟ । କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, ଗଞ୍ଜାମ ଓ ଗଜପତିକୁ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେହିପରି ଆସନ୍ତାକାଲି ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ତାଣ୍ଡବ ରଚିବ କାଳବୈଶାଖୀ । ଏଥିପାଇଁ ୯ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୪ ତାରିଖରେ ୧୫ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଘଣ୍ଚାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର । ସେପଟେ ପଶ୍ଚିମ ଓଡ଼ିଶାକୁ ତାତିରୁ ମିଳିବନି ତ୍ରାହି । ବିଭିନ୍ନ ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ ।