ଲଗାଣ ବର୍ଷାରେ ବେହାଲ ଓଡ଼ିଶା, ଆଜି ପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ଲଗାଣ ବର୍ଷାରେ ବେହାଲ ଓଡ଼ିଶା । ଲଘୁଚାପ, ଟ୍ରାପଲାଇନ ଏବଂ ଘୂର୍ଣ୍ଣିବଳୟର ମିଳିତ ପ୍ରଭାବରେ ଜାରି ରହିଛି ଅବିଶ୍ରାନ୍ତ ବର୍ଷା । ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର ଓ ବରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢ଼ିବ । ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ସତର୍କ କରାଯାଇଛି ।

ସେପଟେ ଆଗକୁ ଆସୁଛି ଆଉ ୨ଟି ଲଘୁଚାପ । ୯ ଓ ୧୩ ତାରିଖରେ ଦୁଇଟି ଲଘୁଚାପ ସୂଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଥମ ଲଘୁଚାପ ପ୍ରଭାବରେ ୮ରୁ୧୦ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ପରେ ୧୩ ତାରିଖରେ ସୃଷ୍ଟି ହେବାକୁ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ର ନାଥ ପଶୁପାଳକ । ଫଳରେ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବାର ସମ୍ଭାବନା ରହିଛି ।